ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି, ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ

ଭୁବନେଶ୍ବର: ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଏପ୍ରିଲ ୨୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଆଜିଠାରୁ ଏହି ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁଯାୟୀ ଚତୁର୍ଥ ପର୍ଯ୍ୟାୟରେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ସେହିପରି ମୟୂରଭଞ୍ଜ ଲୋକସଭା ଆସନ ଅନ୍ତର୍ଗତ ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା ଓ ମୋରଡ଼ା ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଛି। ବାଲେଶ୍ବର ଲୋକସଭା ନିର୍ବାଚନ ମଣ୍ଡଳୀରେ ଥିବା ବଡ଼ସାହି, ଜଳେଶ୍ବର, ଭୋଗରାଇ, ବସ୍ତା, ବାଲେଶ୍ବର, ରେମୁଣା ଓ ନୀଳଗିରି ସମେତ ଭଦ୍ରକ ଲୋକସଭା ଆସନ ଅନ୍ତର୍ଗତ ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବା ସହ ଯାଜପୁର ଲୋକସଭା ଆସନ ଅଧୀନରେ ଆସୁଥିବା ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ ଓ ସୁକିନ୍ଦା ବିଧାନସଭା ଆସନ ସମେତ କେନ୍ଦ୍ରାପଡ଼ା ଲୋକସଭା ଅନ୍ତର୍ଗତ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଓ ମହାକାଳପଡ଼ା ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀରେ ଆସୁଥିବା ବିଧାନସଭା ଆସନ ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର ଓ ନିମାପଡ଼ା ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ ପାଇଁ ନିର୍ବାଚନ ଆୟୋଗ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ପର୍ଯ୍ୟାୟରେ ଆସନ୍ତା ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ। ୧୦ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୧୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ କରାଯାଇଛି।

ସମ୍ବନ୍ଧିତ ଖବର