ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁଁ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାର କିଛି ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Advertisment

ଆଜି ଅପରାହ୍ଣରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, ଜଗତସିଂହପୁର ଓ ଢ଼େଙ୍କାନାଳ ଜିଲ୍ଲାରେ ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ପୁରୀ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନ ସହ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ଥିବାରୁ ବର୍ଷା ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଏଥିସହ ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ଉଠିବାର ସମ୍ଭାବନା ଥିବା କାରଣରୁ ଧୀବର ଓ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।