ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁଁ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାର କିଛି ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Advertisment

ଆଜି ଅପରାହ୍ଣରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଓ କଟକ ଜିଲ୍ଲାରେ ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଯାଜପୁର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କୋରାପୁଟ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

publive-image

ଏଥିସହ ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ଉଠିବାର ସମ୍ଭାବନା ଥିବା କାରଣରୁ ଧୀବର ଓ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।