ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଆସନ୍ତା ୨୪ ଘଣ୍ଟାରେ ଲଘୁଚାପବଳୟରେ ପରିଣତ ହେବ

ଭୁବ‌ନେଶ୍ବର: ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପବଳୟରେ ପରିଣତ ହେବ। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କାଁ ଭାଁ କେତୋଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ବୁଧବାର ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ହେବ। ୨୦ ତାରିଖରେ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଧା ଓ ଜଗତ୍‌ସିଂହପୁରର କେତେକ ସ୍ଥାନରେ ବଜ୍ରପାତର ଆଶଙ୍କା ରହିଛି। ତାହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୨ ତାରିଖରେ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଗତ ୧୨ ଘଣ୍ଟା ମଧ୍ୟରେ କେବଳ ଭୁବନେଶ୍ବରରେ ୧୧.୨ ମିମି ବର୍ଷା ‌ହୋଇଛି। ଓଡ଼ିଶାରେ ବାକି ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା।

ସମ୍ବନ୍ଧିତ ଖବର