ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା; ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ କାଳବେଶାଖୀ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣି ଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ସହ ଘନଘନ ବଜ୍ରପାତ ହେବ।

ତେବେ, ୧୬ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ ବାଲେଶ୍ୱର, ଭଦ୍ରକ, ଖୋର୍ଧା, ନୟାଗଡ଼ ସମେତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ହୋଇପାରେ। କିନ୍ତୁ ୧୭ ତାରିଖ ସକାଳୁ ସାରା ରାଜ୍ୟରେ କୋହଲା ପାଗ ଲାଗିରହିବ। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ। ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ; ଯାହାକି ୧୮ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ଲାଗିରହିବ।

ଅନ୍ୟପକ୍ଷରେ ଏବେ ବି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରକାଲି ତାଳଚେରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରି ରେକର୍ଡ କରାଯାଇଛି, ସେହିପରି ସର୍ବନିମ୍ନ ତାପମାତ୍ରା ସୁନ୍ଦରଗଡ଼ରେ ୧୭ ଡିଗ୍ରି ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର