ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଗୁରୁବାର ମଧ୍ୟାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ତେବେ, ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ସଂପ୍ରତି ଦକ୍ଷିଣ ପୂର୍ବ ଏବଂ ବଙ୍ଗୋପସାଗରର ଦକ୍ଷିଣ- ପଶ୍ଚିମ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇପଡ଼ିଛି।
ହେଲେ, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଠାରୁ ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମବଙ୍ଗର ପଶ୍ଚିମ ଉପକୂଳ ଉପରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍ଲାଇନ ବିସ୍ତାରିତ ହୋଇରହିଛି। ଏହା ସମୁଦ୍ର ପତ୍ତନ ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଅଗ୍ରସର ହେଉଛି। ଉପରୋକ୍ତ ସାଇକ୍ଲୋନିକ୍ ସଞ୍ଚାରଣରୁ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନା ଦେଇ ପଶ୍ଚିମ ବିଦର୍ଭ ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ୍ ୧.୫ କିଲୋମିଟର ଉଚ୍ଚରେ ସକ୍ରିୟ ରହିଥିବାରୁ ରାଜ୍ୟ ଉପରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।