କାଳବୈଶାଖୀ: ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି; ୭ ଜିଲ୍ଲାରେ ୪୦-୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଆଗାମୀ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ମେ ୬ ତାରିଖରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଗାମୀ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୩ ତାରିଖ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଅନୁଜୁଳ, ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ସେହିପରି ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ, ଭଦ୍ରକ, ଯାଜପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୨୦ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, ଓ କନ୍ଧମାଳ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ କମ ରହିପାରେ।

ସମ୍ବନ୍ଧିତ ଖବର