ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

ଖୋର୍ଦ୍ଧା: ଓଡ଼ିଶାରେ ସଂଘଟିତ ୧୯୯୯ ମହାବାତ୍ୟାର ଭୟାବହତାକୁ ମନେ ପକାଇ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ସଚେତନତା ଶୋଭାଯାତ୍ରା ଓ ଅଗ୍ନିଶମ, ବିପର୍ଯ୍ୟୟ ପ୍ରଶମନ ବଳ (ଏସଡ଼ିଆରଏଫ) ପକ୍ଷରୁ ଜୀବନରକ୍ଷାକାରୀ କୌଶଳ ପ୍ରଦର୍ଶନ କରାଯାଇଥିଲା।

ଆଜି ସକାଳେ ଖୋର୍ଦ୍ଧାର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀ, ସ୍ୱେଚ୍ଛାସେବୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଅନୁଷ୍ଠିତ ଏକ ସଚେତନତା ଶୋଭାଯାତ୍ରାକୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦଘାଟନ କରିଥିଲେ। ଶୋଭାଯାତ୍ରା ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚବିଦ୍ୟାଳୟ ନିକଟରୁ ବାହାରି ଜିଲ୍ଳାପାଳ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା। କାର୍ଯ୍ୟାଳୟ ପରିସରରେ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳର ଯବାନମାନେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ନିଜର ତଥା ଲୋକଙ୍କ ଜୀବନକୁ କିଭଳି ରକ୍ଷା କରାଯାଇପାରିବ ସେନେଇ ବିଭିନ୍ନ କୌଶଳ ପ୍ରଦର୍ଶନ କରିଥିଲେ। ପରେ ଜିଲ୍ଳାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ ଅଧ୍ୟକ୍ଷତା କରିଥିଲେ।

Sambad

ବୈଠକରେ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତିର ସ୍ଥିତିସ୍ଥାପକତାରେ ଗୋଷ୍ଠୀର ଭୂମିକା ଶୀର୍ଷକ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ପରସ୍ପରିକ ସହଯୋଗରେ ଧନଜୀବନର ରକ୍ଷା କରାଯାଇପାରିବ ସେନେଇ ଅତିଥିମାନେ କହିଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗନ୍ତ ରାଉତରାୟ, ଜିଲ୍ଲା ଆପଦକାଳୀନ ଅଧିକାରୀ ଉର୍ମିପ୍ରଭା ମହାରଣା, ଜିଲ୍ଲା ଶିକ୍ଷାଧିାରୀ ବିଶ୍ୱନାଥ ତରାଇ, ଅତିରିକ୍ତ ଶିକ୍ଷାଧିକାରୀ ସ୍ନିଗ୍ଧା ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳୀ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ମନୋଜ କୁମାର ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରୀ ପଟ୍ଟନାୟକ, ଓସଡେମା ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁକାନ୍ତ କୁମାର ଦାଶଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର