ଭୁବନେଶ୍ୱର: ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସଂପ୍ରତି ଲଘୁଚାପଟି ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଏହା ଆଗାମୀ ୨ ଦିନ ଯାଏଁ ସକ୍ରିୟ ରହିବା ସହ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ମଙ୍ଗଳବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Advertisment

publive-image

ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଅନ୍ୟପକ୍ଷରେ ମୌସୁମୀ ଲଘୁଚାପ ଏବେ ଜୈସଲମେର, କୋଟା, ଗୁନା, ସିଦ୍ଧି, ରାଞ୍ଚି ଦେଇ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର କେନ୍ଦ୍ର ଦେଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରୁଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ସେପ୍ଟେମ୍ବର, ବୁଧବାର ଅପରାହ୍ନ ମଧ୍ୟରେ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ ଜିଳ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା (୭ରୁ ୨୦ ସେମି)ର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାଣ୍ଣିଂ ଜାରି କରାଯାଇଛି।

ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ମଧ୍ୟ ହଳଦିଆ ଚେତାବନୀ ବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।