ନୂଆଦିଲ୍ଲୀ/ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ୫୦ ହଜାର ଟଙ୍କା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏଣେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ।

Advertisment

ତେଣେ ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।
ଠିକ୍ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। .
ଏହାଛଡ଼ା ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି।