ନୂଆଦିଲ୍ଲୀ/ଭୁବନେଶ୍ବର: ଏଣିକି ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଉପଲବ୍ଧ ହେବ। ଏନେଇ  ସୋମବାର ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନ୍ୟାସନାଲ୍ ହେଲଥ ଅଥରିଟି ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି।
Advertisment
ଏହି ଯୋଜନା ଦ୍ବାରା ୧ କୋଟି  ୩ଲକ୍ଷ ପରିବାର ଉପକୃତ ହେବେ । ୨୩ ଲକ୍ଷରୁ ଅଧିକ ୭୦ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ଚିକିତ୍ସା ସୁବିଧା ପାଇବେ । ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ। ହିତାଧିକାରୀ ଦେଶର ୨୯ ହଜାରରୁ ଅଧିକ ଚିକିତ୍ସାଳୟରେ ଚିକିତ୍ସା ସୁବିଧା ପାଇପାରିବେ।  ପ୍ରତ୍ୟେକ ପଞ୍ଚାୟତରେ ପ୍ରତିଷ୍ଠା ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହୋଇଛି। ବର୍ତ୍ତମାନ ରାଜ୍ୟରେ ୨୩,୧୨, ୯୭୯ ଜଣ ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି । 
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡ଼ିଶାର ଲୋକ, ବିଶେଷ କରି  ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଓ ୨୦୪୭ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । 

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ପଞ୍ଚାୟତସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ । ତେଣୁ, ରାଜ୍ୟ ସରକାର ବର୍ତ୍ତମାନ ପ୍ରତି ପଞ୍ଚାୟତରେ ଗୋଟିଏ  ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା କରିବେ।  ସେଠାରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ । ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି,  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଏହି ଯୋଜନା ୨୦୧୮ ମସିହାରୁ ଲାଗୁ ହୋଇଥିଲେ ମଧ୍ୟ ଓଡ଼ିଶାର ଲୋକଙ୍କୁ ଏଥିରୁ ବଞ୍ଚିତ କରାଯାଇଥିଲା । ବର୍ତ୍ତମାନ ଏହି ଯୋଜନା ଓଡ଼ିଶାର ନିଜସ୍ୱ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଯୋଡିହେବ ଏବଂ ଏହା ଦ୍ୱାରା ଓଡିଶାରେ ୧ କୋଟିରୁ ଅଧିକ ପରିବାର ଦେଶର ୨୯ ହଜାର ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସୁବିଧା ପାଇପାରିବେ । ବର୍ତ୍ତମାନ ମାତ୍ର ୯୦୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 
ଚଳିତ ବଜେଟ୍‌ରେ ସ୍ୱାସ୍ଥ୍ୟକ୍ଷେତ୍ରରେ ପ୍ରାୟ ୨୧ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଯାହାକି ପୂର୍ବ ବର୍ଷ ଅପେକ୍ଷା ୩୨.୨ ପ୍ରତିଶତ ଅଧିକ ଏବଂ ଏହା ରାଜ୍ୟ ବଜେଟର ୮ ପ୍ରତିଶତ । ଏହି ପରିମାଣ ଜାତୀୟ ସ୍ୱାସ୍ଥ୍ୟନୀତିର ସୁପାରିଶ ଅନୁରୂପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ଏହି ଯୋଜନାରେ ପୁରୁଷମାନେ ୫ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ । ମହିଳା ହିତାଧିକାରୀମାନେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ । 
ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ  ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ ଜୁଏଲ ଓରାମ, ରେଲ୍, ଆଇ.ଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।