ନୂଆଦିଲ୍ଲୀ: ୧୪୬ ଦିନ ପରେ ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧,୫୯୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୫୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୨,୨୫୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୨୪କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ର, କର୍ଣ୍ଣାଟକ, ରାଜସ୍ଥାନ ଏବଂ ଉତ୍ତରାଖଣ୍ଡରୁ ଗତ ୨୪ ଘଣ୍ଟାରେ ଏହି ମୃତ୍ୟୁ ରେକର୍ଡ କରାଯାଇଛି।
Image Courtesy of Times of Indiaଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୧.୩୩% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୨୩% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୨,୮୩୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୪୪,୩୨୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୧୯,୫୬୦ଟି ନମୁନା।
Follow Us