ଆଜି ଦେଶରେ ୧୭୪ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨ ଶହ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା କିଛି ହ୍ରାସ ପାଇ ୨.୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୦,୭୫୭ରେ ପହଞ୍ଚିଛି।

Image Courtesy of The Financial Express

ସେହିପରି, ମହାରାଷ୍ଟ୍ରରେ ଗୋଟିଏ ମୃ୍ତ୍ୟୁ ରେକର୍ଡ କରାଯିବା ଓ କର୍ଣ୍ଣାଟକ ପିଛିଲା ଭାବେ ଗୋଟିଏ ମୃତ୍ୟୁ ସାମିଲ କରିବାଦ୍ବାରା ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୨୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୭,୭୭୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୫୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୬,୨୫,୯୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୯୪,୯୬୮ଟି ନମୁନା।

ସମ୍ବନ୍ଧିତ ଖବର