ପୁନେ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ନିବେଶ କଲେ ମାନବଜାତିର ପ୍ରଗତିରେ ହିଁ ନିବେଶ ହୋଇଥାଏ। ଜି-୨୦ର ରାଷ୍ଟ୍ରସମୂହ ଓ ସଦସ୍ୟମାନେ ଜ୍ଞାନ, କୌଶଳ, ସାମାଜିକ ଓ ଆର୍ଥିକ ଦୂରତାକୁ ହ୍ରାସ କରିବା ସହ ଜୀବନବ୍ୟାପୀ ଶିକ୍ଷାଗ୍ରହଣର ସୁଯୋଗ ମାଧ୍ୟମରେ ଏକ ସମୃଦ୍ଧ ବିଶ୍ୱ ଗଢିବା ପାଇଁ ଆଗେଇ ଆସିବା ଖୁସିର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ପୁନେରେ ଅନୁଷ୍ଠିତ ‘ଚତୁର୍ଥ ଶିକ୍ଷା ଓ୍ୱାର୍କିଂ ଗ୍ରୁପ୍ ଏବଂ ମନ୍ତ୍ରିସ୍ତରୀୟ ବୈଠକ’ରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀର ଶିକ୍ଷା ଓ୍ୱାର୍କିଂ ଗ୍ରୁପ୍ ବୈଠକ ଶିକ୍ଷାକୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଏବଂ ଫଳାଫଳର ପ୍ରତିବଦ୍ଧତାକୁ ଦୋହରାଇଛି। ଜି-୨୦ ବୈଠକରେ ଉଦଘାଟନୀ ସମାରୋହରେ ବିଭିନ୍ନ ଦେଶର ମନ୍ତ୍ରୀ, ପ୍ରତିନିଧିମଣ୍ଡଳୀ ଓ ୟୁନେସ୍କୋ, ୟୁନିସେଫ ଓ ଓଇସିଡି ସହ ଆଲୋଚନା କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଜି-୨୦ ବୈଠକ ମନ୍ତ୍ରିସ୍ତରୀୟ ଆଲୋଚନାରୁ ଊର୍ଦ୍ଧ୍ୱକୁ ଯାଇ ସ୍କୁଲ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ଦକ୍ଷତା ପରିସଂସ୍ଥାନର ୫.୨ କୋଟିରୁ ଊର୍ଦ୍ଧ୍ୱ ଷ୍ଟେକହୋଲଡରଙ୍କ ଯୋଡି ହେବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଚାରରେ ମାନବଜାତିର କଲ୍ୟାଣ ଏବଂ ଗୁଣାତ୍ମକ ଶିକ୍ଷା ସହ ସୁଶାସନ ହେଉଛି ଭାରତର ଉଦ୍ଦେଶ୍ୟ। ଶିକ୍ଷା କ୍ଷେତ୍ରରେ ଥିବା ଆହ୍ୱାନକୁ ଚିହ୍ନଟ କରିବାରେ ଭାରତ ବ୍ରାଜିଲ ସହ କାର୍ଯ୍ୟ କରିବ ତଥା ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପକୁ ସକରାତ୍ମକ ପରିବର୍ତ୍ତନର ପ୍ରେରକ ଭାବେ ଉପସ୍ଥାପନା କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ଶ୍ରୀ ପ୍ରଧାନ ସାଉଦି ଆରବର ଶିକ୍ଷାମନ୍ତ୍ରୀ ଜୋସେଫ୍ ଅଲ୍ ବେନୟାନଙ୍କ ସହ ଉଚ୍ଚଶିକ୍ଷାରେ ଭାରତୀୟ ଛାତ୍ରଛାତ୍ରୀଙ୍କୁ ବୃତ୍ତି ତଥା ବିଶେଷ ଭାବରେ ଶକ୍ତି ଓ ପେଟ୍ରୋକେମିକାଲ କ୍ଷେତ୍ରରେ ସୁଯୋଗ ପ୍ରଦାନ ଦିଗରେ ଆଲୋଚନା କରିଥିଲେ। ଜାପାନର ଶିକ୍ଷାମନ୍ତ୍ରୀ ନାଗୋକା କେକୋଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଅଧିକ ସହଭାଗିତା ନେଇ ଚର୍ଚ୍ଚା ହୋଇଥିଲା।