ରାଜକ୍ଷମା ଆବେଦନ କଲା ନିର୍ଭୟା ମାମଲାର ଦୋଷୀ ମୁକେଶ

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଫାଶୀ ପାଇବାକୁ ଯାଉଥିବା ମୁକେଶ ରାଜକ୍ଷମା ଆବେଦନ କରିଛି । ତିହାର ଜେଲ କର୍ତ୍ତୃପକ୍ଷ ଜରିଆରେ ସେ ଏହି ରାଜକ୍ଷମା ଆବେଦନ କରିଛି । ଆସନ୍ତା ୨୨ ତାରିଖରେ ମୁକେଶ ସମେତ ଅନ୍ୟ ୩ ଜଣଙ୍କୁ ଫାଶୀ ଦଣ୍ଡ ଦିଆଯିବ । ଏହା ପୂର୍ବରୁ ଆଜି ସୁପ୍ରିମକୋର୍ଟ ସେମାନଙ୍କ କ୍ୟୁରେଟିଭ ପିଟିସନକୁ ଖାରଜ କରିଦେଇଥିଲେ । ଏଣୁ ଏହି ରାଜକ୍ଷମା ଆବେଦନ ଉପରେ ମୁକେଶର ଶେଷ ଆଶା ରହିଛି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ପାରାମେଡ଼ିକାଲ ଛାତ୍ରୀ ନିର୍ଭୟାକୁ ଏକ ଚଳନ୍ତା ବସରେ ଗଣ-ଦୁଷ୍କର୍ମ କରାଯିବା ସହ ଅମାନୁଷିକ ନିର୍ଯ୍ୟାତନା ଦିଆଯାଇଥିଲା । ୬ ଜଣ ବ୍ୟକ୍ତି ଏହି କାଣ୍ଡ ଘଟାଇବା ପରେ ତାକୁ ଚଳନ୍ତା ବସରୁ ଫିଙ୍ଗିଦେଇଥିଲେ । ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ନିର୍ଭୟା, ସେହିବର୍ଷ ଡିସେମ୍ବର ୨୯ରେ ସିଙ୍ଗାପୁରର ମାଉଣ୍ଟ ଏଲିଜାବେଥ ହସପିଟାଲରେ ମୃତ୍ୟୁବରଣ କରିଥିଲେ । ଏହି ଘଟଣାରେ ଗିରଫ ହୋଇଥିବା ୬ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ରାମ ସିଂ ତିହାର ଜେଲରେ ଆତ୍ମହତ୍ୟା କରିଥିଲା । ଆଉ ଜଣ ଅଭିଯୁକ୍ତ ନାବାଳକ ହୋଇଥିବାରୁ ତାକୁ ଏକ ବାଳ ସୁଧାର ଗୃହକୁ ପଠାଇଦିଆଯାଇଥିଲା । ୨୦୧୩, ସେପ୍ଟେମ୍ବର ୧୩ରେ ଦିଲ୍ଲୀର ଏକ ଫାଷ୍ଟଟ୍ରାକ୍‌ କୋର୍ଟ ଏହି ୪ ଅଭିଯୁକ୍ତମାନଙ୍କୁ ଦୋଷୀ ଘୋଷଣା କରିବା ସହ ମୃତ୍ୟୁଦଣ୍ଡ ଦେଇଥିଲେ । ୫ ମେ, ୨୦୧୭ରେ ସୁପ୍ରିମକୋର୍ଟ ଏହି ମୃତ୍ୟୁଦଣ୍ଡକୁ କାଏମ ରଖିଥିଲେ । ସେହିବର୍ଷ ନଭେମ୍ବର ୧୩ରେ ଦୋଷୀମାନେ ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ । ଗତ ବର୍ଷ ଜୁଲାଇ ମାସରେ ସୁପ୍ରିମକୋର୍ଟ ଦୋଷୀମାନଙ୍କ ପୁନର୍ବିଚାର ଆବେଦନକୁ ଖାରଜ କରିଦେଇଥିଲେ । ଗତ ଡିସେମ୍ବର ମାସରେ ସୁପ୍ରିମକୋର୍ଟ ସେମାନଙ୍କ ଆବେଦନକୁ ଖାରଜ କରିଦେଇଥିଲେ ।

ସମ୍ବନ୍ଧିତ ଖବର