ପୌର ନିର୍ବାଚନ : ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ, ପ୍ରଥମ ଥର ପାଇଁ ନୋଟା ବିକଳ୍ପ ରହିବ

ଭୁବନେଶ୍ୱର : ଆଗାମୀ ପୌରସଂସ୍ଥା ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ  ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ । ସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ବ୍ୟବହାର ହେବ ।  ଇଭିଏମର ସବାଶେଷରେ ନୋଟା ବଟନ୍ ରହିବ ।

ନିର୍ବାଚନ ମଇଦାନରେ ଭୋଟରଙ୍କ ମନପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବ । ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥରେ ଦୁଇଟି ଲେଖାଏଁ ଇଭିଏମ୍ ରହିବ । ସେଥିରୁ ଗୋଟିଏ କର୍ପୋରେଟର/କାଉନ୍ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବା କର୍ପୋରେଟର/କାଉନ୍ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ୍ ପେପର ଓ ଅଧ୍ୟକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍ ପେପର ନିର୍ବାଚନରେ ବ୍ୟବସ୍ଥା କରାଯିବ । ଏହାଛଡ଼ା ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର/କାଉନସିଲର  ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧ୍ୟକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବା ଏହା ଦ୍ୱାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏମରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବ ।  ପ୍ରତ୍ୟେକ ବୁଥ୍ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିଛିା ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ/ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିସାରି ଦ୍ୱିତୀୟ ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର/କାଉନ୍ସିଲର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି । ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲାଟ ପେପର ସୁବିଧା କରାଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ଦୁଇଦିନିଆ ଇଭିଏମ୍ ତାଲିମ କାର୍ଯ୍ୟକ୍ରମ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ଶେଷ ହୋଇଛି । ପୌର ନିର୍ବାଚନ ପାଇଁ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ଓ୍ୱାର୍ଡ ପୁନର୍ଗଠନ, ବୁଥ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ ଅନୁମୋଦନ କରିସାରିଛନ୍ତି । ପୌର ନିର୍ବାଚନ ନିମନ୍ତେ ସମସ୍ତ ଦିଗରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତ ଥିବା କମିଶନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

 

ସମ୍ବନ୍ଧିତ ଖବର