ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ବୁଧବାର ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଦଳୀୟ କାର୍ଯ୍ୟାଳୟରେ ଭେଟିଛନ୍ତି। ସେ ଶୃଙ୍ଖଳା କମିଟି ଆଗରେ ନିଜର ମତ ରଖୁଛନ୍ତି। ଶ୍ରୀ ପ୍ରଧାନ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଲା ପରେ କିଛି ବଡ଼ଧରଣର ଘଟଣା ଘଟିବ ବୋଲି ଚର୍ଚ୍ଚା ଜୋର୍ ଧରିଛି। ତାଙ୍କର ସମର୍ଥକମାନେ ମଧ୍ୟ ବିଜେପି କାର୍ଯ୍ୟାଳୟ ସାମ୍ନାରେ ଭିଡ଼ ଲଗାଇଛନ୍ତି। ବିଜେପି କାର୍ଯ୍ୟାଳୟ ସାମ୍ନାରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି। ସେହିପରି ଖାରବେଳ ନଗର ଥାନାରେ ମଧ୍ୟ ପୁଲିସ ମୁତୟନ କରାଯାଇଛି।
ବିଜେପି କାର୍ଯ୍ୟାଳୟରେ ପହଞ୍ଚିବା ପୂର୍ବରୁ ଜଗନ୍ନାଥ ପ୍ରଧାନ ଆଜି ସନ୍ଧ୍ୟାରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଲେଖିଥିଲେ, ରାଜ୍ୟରେ ଦୁଇଦିନ ହେବ ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି।
ଶ୍ରୀ ପ୍ରଧାନ କହିଛନ୍ତି, ମୁଁ ଆଗରୁ କହିଛି, ଏବେ ବି କହୁଛି, ଏହି ଘଟଣା ଦୁଖଦାୟକ ଓ ନିନ୍ଦନୀୟ। ଏହାକୁ ମୁଁ କଡ଼ା ଶଦ୍ଦରେ ନିନ୍ଦା କରୁଛି। ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି। ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସଂପୂର୍ଣ୍ଣ ସହଯୋଗ କରିବି।
ଏହି ଖବର ପଢ଼ନ୍ତୁ: ବିଏମସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼
ସୂଚନାଯୋଗ୍ୟ, ଗତ ସୋମବାର ଦିନ ବିଏମ୍ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଛନ୍ତି। ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି। ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ଓଏଏସ୍ ଅଧିକାରୀମାନେ କଲମ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି।
BJP | Jagannath Pradhan