ଭୁବନେଶ୍ବର: କମିସନରେଟ୍‌ ପୁଲିସ ହାତରେ ଆଜି ରାତିରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ଭୁବନେଶ୍ବର କୋର୍ଟରେ ହାଜର ହେଲା ପରେ ଜାମିନ ନାମଞ୍ଜୁର ହେବାରୁ ଜଗନ୍ନାଥ ପ୍ରଧାନଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। 

Advertisment

ସୂଚନାଯୋଗ୍ୟ, ଜଗନ୍ନାଥ ପ୍ରଧାନ ଆଜି ରାତି ୯ଟା ୪୦ରେ ଡିସିପି କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ସେ ଗଣମାଧ୍ୟମ ଆଗରେ କହିଥିଲେ, ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାକୁ ମୁଁ ସବୁବେଳେ ନିନ୍ଦା କରିଆସୁଛି। ଏହି ଆକ୍ରମଣ ଘଟଣାରେ ମୋର କୌଣସି ସଂପୃକ୍ତି ନାହିଁ। ଓଏଏସ୍‌ ସଂଘ ମୋର ଗିରଫ ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନ କାରଣରୁ ଜନସାଧାରଣ ପ୍ରଭାବିତ ହୋଇପାରନ୍ତି। ରଥଯାତ୍ରା ଓ ବନ୍ୟା ସମୟରେ ପ୍ରଶାସନିକ ବ୍ୟବସ୍ଥା ପ୍ରଭାବିତ ହୋଇପାରେ। ମୋହନ ଚରଣ ମାଝୀ ସରକାର ବଦନାମ ନହୁଅନ୍ତୁ ଏହା ମୁଁ ଚାହେଁ। କିନ୍ତୁ ସରକାରଙ୍କ ସମ୍ମାନ, ବୃହତ୍ତର ସ୍ବାର୍ଥ ପାଇଁ ସହଯୋଗ କରିବି। ଏହା କହିଲା ପରେ ଶ୍ରୀ ପ୍ରଧାନ ଡିସିପି କାର୍ଯ୍ୟାଳୟ ଭିତରକୁ ପ୍ରବେଶ କରିବା ସହ ଆତ୍ମସମର୍ପଣ କରିଥିଲେ। 

ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା। ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା। ଏହା ପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍‌ପିଟାଲ ନେଇଥିଲା। ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା। 

ଭୁବନେଶ୍ବର ଡିସିପି ଜଗମୋହନ ମୀନା କହିଛନ୍ତି, ଜଗନ୍ନାଥ ପ୍ରଧାନ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବିଭିନ୍ନ ଅଭିଯୋଗ ଆଧାରରେ ତାଙ୍କୁ ଗିରଫ କରାଯାଇଛି। ଆକ୍ରମଣ ଘଟଣାରେ ଏପର୍ଯ୍ୟନ୍ତ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ପୂର୍ବରୁ ଆକ୍ରମଣ ଘଟଣାରେ ୫ଜଣ ଅଭିଯୁକ୍ତ ଗିରଫ ହୋଇସାରିଛନ୍ତି।  

ଅନ୍ୟପକ୍ଷରେ ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀକୁ ତାଙ୍କ ସମର୍ଥକମାନେ ତୀବ୍ର ବିରୋଧ କରିଛନ୍ତି। ଡିସିପି କାର୍ଯ୍ୟାଳୟ ଓ ଝାରପଡ଼ା ଜେଲ୍‌ ସାମ୍ନାରେ ସମର୍ଥକମାନେ ତୀବ୍ର ବିରୋଧ କରିଛନ୍ତି। ବିରୋଧ ପ୍ରଦର୍ଶନ ସମୟରେ ଝାରପଡ଼ାରେ ଜଣେ ମହିଳା ସମର୍ଥକ ଅଚେତ ହୋଇଯାଇଥିଲେ। ଜଣେ ସମର୍ଥକମାନେ କହିଛନ୍ତି, ଯଦି ଜଗନ୍ନାଥ ପ୍ରଧାନ ଗିରଫ ହୋଇଛନ୍ତି, ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁ ମଧ୍ୟ ଗିରଫ ହେବା ଦରକାର। ଜଣେ ସମର୍ଥକମାନେ କହିଛନ୍ତି, ଜଗନ୍ନାଥ ପ୍ରଧାନଙ୍କ କୌଣସି ଭୁଲ ନାହିଁ। ଯଦି ଜଗନ୍ନାଥ ପ୍ରଧାନଙ୍କ ଭୁଲ ଥିଲା, ପୁଲିସ ଘଟଣାର ତଦନ୍ତ କରିବାର ଥିଲା। ତଦନ୍ତରେ ସେ ଯଦି ଅଭିଯୁକ୍ତ ପ୍ରମାଣିତ ହୋଇଥାନ୍ତେ ଗିରଫ କରିଥିଲେ କୌଣସି ଆପତ୍ତି ନଥିଲା। 

Jagannath Pradhan | Bhubaneswar | metro