ମୁମ୍ବାଇରେ ଅପରେସନ ପରେ ଜୁଲାଇ ୧୨ରେ ଓଡ଼ିଶା ଫେରିବେ ନବୀନ

ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହେଲା ପରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ଓଡ଼ିଶା ଫେରିବେ।

Naveen Pattnaik

ଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହେଲା ପରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ଓଡ଼ିଶା ଫେରିବେ। ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍‌ଣ ୧ଟାରେ ପହଞ୍ଚିବେ। ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଅସ୍ତ୍ରୋପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗତ ୭ ତାରିଖ ଦିନ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଚିକିତ୍ସାରେ ଉତ୍ସର୍ଗୀକୃତ ସେବା ପାଇଁ ସେ ହସ୍‌ପିଟାଲର ସମସ୍ତ ଡାକ୍ତରୀ ଟିମ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଓଡ଼ିଶାବାସୀ, ଶୁଭେଚ୍ଛୁଙ୍କ ସମେତ ସଭିଙ୍କ ଶୁଭେଚ୍ଛା ବାର୍ତ୍ତା ଓ ମଙ୍ଗଳ କାମନା ପାଇଁ ସେ କୃତଜ୍ଞତା ଜଣାଇଛନ୍ତି।  

ସୂଚନାଯୋଗ୍ୟ,  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ସେ ଗତମାସ ୨୦ ତାରିଖ ଦିନ ମୁମ୍ବାଇ ଯାଇଥିଲେ। ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ୨୦୨୫ ଜୁନ୍‌ ୨୨ ତାରିଖ ଠାରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା। ମୁମ୍ବାଇ ଯିବା ପୂର୍ବରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ନବୀନ ପଟ୍ଟନାୟକ କହିଥିଲେ, ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୋର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌ ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଛି। ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।  

ନବୀନ ପଟ୍ଟନାୟକଙ୍କ ନିଜର ଅସୁସ୍ଥତା ସଂପର୍କରେ ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‌ଏନେଇ ଚିନ୍ତାପ୍ରକଟ କରିଥିଲେ। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ‌ହୋଇ ଫେରି ଆସନ୍ତୁ ବୋଲି କହିଥିଲେ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି କହିଥିଲେ।

ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ମୁମ୍ବାଇ ଯିବା ସୂଚନା ମିଳିବା ପରେ ତାଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ତାଙ୍କର ସମର୍ଥକମାନେ ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଶୁଭେଚ୍ଛା ଜଣାଇଥିଲେ। ପୂଜାର୍ଚ୍ଚନା କରିଥିଲେ। ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। 

 politics | BJD Naveen Pattnaik 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe