ଭୁବନେଶ୍ୱର: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ସ୍ୱଚ୍ଛ ଭାରତ ଅଭିଯାନ’କୁ ଇତିମଧ୍ୟରେ ୧୦ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଚଳିତବର୍ଷ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ସମଗ୍ର ଦେଶରେ ପାଳନ ହେଉଛି 'ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ'। ଏହିକ୍ରମରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ(ସିବିସି) ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ‘ସ୍ୱଚ୍ଛତା ହିଁ ସେବା’ ସମ୍ପର୍କିତ ଦୁଇଦିନିଆ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି।

Advertisment

ପୁରୀ ଜିଲ୍ଲା ପିପିଲି ବ୍ଲକ୍ ସମପୁର ପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ ଉପରେ ଆୟୋଜିତ ଏକ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଥିଲା। ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱଚ୍ଛତା ଶପଥ ପାଠ ମଧ୍ୟ କରାଯାଇଥିଲା।

ବିଗତ ୧୦ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ‘ସ୍ୱଚ୍ଛ ଭାରତ ଅଭିଯାନ’ ଦେଶରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି। ଅଭିଯାନ ଅଧୀନରେ ଦେଶରେ ୧୨ କୋଟି ଶୌଚାଳୟ ନିର୍ମାଣ କରାଯାଇଛି।

-ଡା. ସମ୍ବିତ ପାତ୍ର, ପୁରୀ ସାଂସଦ

publive-image

ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ କହିଛନ୍ତି, ଆଗାମୀ ଦିନରେ ପିପିଲି ବ୍ଲକ୍ ସମେତ ସ୍ଥାନୀୟ ଅଞ୍ଚଳରେ ଏହି କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ। ଏଥିପାଇଁ ସେ ଉପସ୍ଥିତ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି । ଭୁବନେଶ୍ୱର କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟ ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର କାର୍ଯ୍ୟକ୍ରମର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। 

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମପୁର ସରପଞ୍ଚ ଝରଣା ବରାଳ, ବିଶିଷ୍ଟ ସାମାଜିକ କର୍ମୀ ଜ୍ୟୋତିକାନ୍ତ ମହାପାତ୍ର ପ୍ରମୁଖ ଅଭିଭାଷଣ ପ୍ରଦାନ କରିଥିଲେ। ସିବିସି ଭୁବନେଶ୍ୱରର ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ କ୍ଷେତ୍ର ପ୍ରଦର୍ଶନୀ ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। କ୍ଷେତ୍ର ପ୍ରଚାର ଅଧିକାରୀ ସସ୍ମିତା ପାଇକରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।