କଟକ: ପାର୍ବଣ ସମୟରେ ଜୋରଜବରଦସ୍ତ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହିତ ଅଭିଯୋଗ ଆସିଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୁଲିସ ଡିଜି ଵାଇ.ବି. ଖୁରାନିଆ ସମସ୍ତ ଜିଲ୍ଲା ଏସ୍ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଅପରାହ୍ନରେ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପାର୍ବଣ ଋତୁ ସମୟରେ ରାଜ୍ୟବାସୀଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ ସେ ଦିଗରେ ଅପରାଧୀ ଶ୍ରେଣୀୟ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପାର୍ବଣ ଋତୁ ସମୟରେ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରିବାକୁ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ତଥ୍ୟ ଉପରେ ନଜର ରଖିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ୱାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି।
ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନଗୁଡିକରେ ପୁଲିସ ପାଟ୍ରୋଲିଂ, କଡ଼ାକଡ଼ି ଚେକିଂ, ଅଭ୍ୟାସଗତ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ଲଗାଇବା, ଗୁଇନ୍ଦା ସୂଚନା ସଂଗ୍ରହ, ପୂଜା କମିଟି ସହ ଆଲୋଚନା, ବିଭିନ୍ନ ଗୋଷ୍ଠୀମାନଙ୍କ ସହିତ ବୈଠକ, ସ୍ଥାନୀୟ ଲୋକପ୍ରତିନିଧିମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଗୁଜବକାରୀଙ୍କୁ ଚିହ୍ନଟ, ପୂଜା ହେଉଥିବା ସ୍ଥାନରେ ବ୍ୟାପକ ପୁଲିସ ମୁତୟନ, ଭସାଣି ସମୟରେ ସତର୍କତା ପଦକ୍ଷେପ ଇତ୍ୟାଦି ପ୍ରସଙ୍ଗରେ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୁଲିସ ଅଧିକାରୀଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ପାର୍ବଣ ଋତୁରେ ବେଆଇନ ଗୋରୁ ଚାଲାଣ ଏବଂ ବେଆଇନ ବାଣ ବିକ୍ରି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ପୂଜା ସମୟରେ ବିଭିନ୍ନ ସ୍ଥାନରେ କମିଟି ପକ୍ଷରୁ ମେଳାର ଆୟୋଜନ କରାଯାଇଥାଏ। ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସ୍ଥାନଗୁଡିକୁ ପରିଦର୍ଶନରେ ଯାଇ ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଏହି ବୈଠକରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ୟତିନ୍ଦ୍ର କୋୟଲ, ଆଇଜିପି ସତୀଶ ଗଜଭିୟେ, ଆଇଜିପି (କ୍ରାଇମବ୍ରାଞ୍ଚ) ସଫିନ ଅହମ୍ମଦ, ଆଇଜିପି (କ୍ରାଇମବ୍ରାଞ୍ଚ) ଡାକ୍ତର ସାର୍ଥକ ଷଡ଼ଙ୍ଗୀ, ଡିଆଇଜିପି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଯୁଗଳ କିଶୋର କୁମାର ବନୋଥ, ଏସପି ଭିନିତ ଅଗ୍ରୱାଲଙ୍କ ସମେତ ଆଭାସୀ ମାଧ୍ୟମରେ ଗୁଇନ୍ଦା ନିର୍ଦ୍ଦେଶକ ଆର. ପି. କୋଚେଙ୍କ ସମେତ ସମସ୍ତ ଜିଲ୍ଲା ଏସପି, ରେଞ୍ଜ ଆଇଜି, ଡିଆଇଜି ପ୍ରମୁଖ ଉପସ୍ଥିତ ଥିଲେ।