ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୨ର ରାଜ୍ୟସ୍ତରୀୟ ସମାରୋହ: ୪ ଶ୍ରମିକ ନେତାଙ୍କୁ ‘ବିଜୁ ଶ୍ରମିକ ବନ୍ଧୁ ସମ୍ମାନ-୨୦୨୨’

ଭୁବନେଶ୍ୱ: ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ରବିବାର ଜୟଦେବ ଭବନରେ ପାଳିତ ହୋଇଯାଇଛି। ଏହାକୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରମିକ କଲ୍ୟାଣ ବୋର୍ଡର ନୂତନ ଅନ୍‌ଲାଇନ୍‌ ପୋର୍ଟାଲ https:\\nirmanshramik.odisha.gov.inକୁ ଲୋକାର୍ପଣ କରି କହିଲେ ଯେ ଏହି ବ୍ୟବସ୍ଥା ଦ୍ୱାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜୀକରଣ, ନବୀକରଣ ଓ ସହାୟତା ଆବେଦନ ନିମନ୍ତେ ଏବେ ଆଉ ଶ୍ରମ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ। ଶ୍ରମିକ ଭାଇଭଉଣୀମାନେ ଘରେ ବସି ମଧ୍ୟ ଉପରୋକ୍ତ ସେବା ପାଇପାରିବେ। ସେହିପରି ଶ୍ରମ ନିର୍ଦ୍ଦେଶାଳୟ ଏବଂ କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଦୁଇଗୋଟି ୱେବ୍‌ସାଇଟ୍‌କୁ ଲୋକାର୍ପଣ କରାଯାଇଥିଲା।

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଲେ, ଶ୍ରମିକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ବହୁବିଧ କଲ୍ୟାଣ ରାଜ୍ୟ ସରକାରଙ୍କ ପ୍ରାଥମିକତା। ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଆମ ରାଜ୍ୟ ଭାରତ ବର୍ଷରେ ଆଜି ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯୋଗଦେଇ କହିଲେ, ରାଜ୍ୟ ସରକାର ଶ୍ରମିକମାନଙ୍କର ବହୁବିଧ କଲ୍ୟାଣ ନିମନ୍ତେ ଅଙ୍ଗୀକାରବଦ୍ଧ ଓ ସର୍ବଦା ସେମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ଚେଷ୍ଟା ଜାରି ରଖିଛନ୍ତି। ଏହି ଅବସରରେ ଶ୍ରମିକ ଭାଇଭଉଣୀମାନଙ୍କ ପାଇଁ ଉତ୍ସର୍ଗୀକୃତ ମନୋଭାବ ନେଇ ଅହରହ କାର୍ଯ୍ୟ କରୁଥିବା ପ୍ରମୁଖ ଶ୍ରମିକ ସଂଗଠନର ୪ଜଣ ଶ୍ରମିକ ନେତାଙ୍କୁ ‘ବିଜୁ ଶ୍ରମିକ ବନ୍ଧୁ ସମ୍ମାନ-୨୦୨୨’ରେ ସମ୍ମାନିତ କରାଯାଇଥିଲା। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ୍‌ ସ୍ୱାଗତ ଭାଷଣ ଓ ଶ୍ରମ ଆୟୁକ୍ତ ଡ. ଏନ୍‌. ଥିରୁମାଲା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗର ବରିଷ୍ଠ ପଦାଧିକାରୀ, ବିଭିନ୍ନ ଶ୍ରମିକ ସଂଗଠନର ନେତୃମଣ୍ଡଳୀ ଏବଂ ବହୁ ଶ୍ରମିକ ଭାଇଭଉଣୀମାନେ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର