ଭୁବନେଶ୍ୱର : ପୁଷ୍ଟିହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟଶସ୍ୟର ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିସନ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟରେ ବର୍ତମାନ ସୁଦ୍ଧା ୧୪୨ ଟି ମିଲେଟ୍ ଆଉଟ୍ଲେଟ୍ ଖୋଲା ଯାଇସାରିଲାଣି। ରବିବାର ଦିନ ଲୋକସେବା ଭବନରେ ଏକ ମିଲେଟ୍ ଶକ୍ତି କାଫେ ଖୋଲିଛି। ଏହା ସହିତ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଶିଶୁ ସନ୍ତାନଙ୍କ ପାଇଁ ଏକ କ୍ରେଚ୍ ‘କଳିକା’ ମଧ୍ୟ ଖୋଲିଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କରାଯାଇଛି। ଅକ୍ଷୟ ତୃତୀୟ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାଫେ ଓ କ୍ରେଚ୍କୁ ଉଦ୍ଘାଟନ କରିଥିଲେ।
ମୁଖ୍ୟମନ୍ତ୍ରୀ ପ୍ରଥମେ ଓୟୁଏଟି ଯାଇ ସେଠାରେ ଅଖିମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇଭଉଣୀମାନଙ୍କୁ ଶୁଭେଛା ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦ୍ଘାଟନ ମଧ୍ୟ କରିଥିଲେ। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘କେନ୍ଦ୍ରୀୟ ନିୟନ୍ତ୍ରଣ ବ୍ୟବସ୍ଥା’ ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରିପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିସନର ଅନୁ ଗର୍ଗ, କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ମିସନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଏବଂ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।