ଭୁବନେଶ୍ୱର: ଆସନ୍ତାକାଲି (ବୁଧବାର) ଠାରୁ ଜନତା ମଇଦାନରେ ଆରମ୍ଭ ହେବ ଉନବିଂଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୫। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବେ। ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବ। ଚଳିତବର୍ଷ ଏହି ମେଳାରେ ୬୫୦ରୁ ଅଧିକ ଷ୍ଟଲ ପଡ଼ିବ। ଭାରତ ସରକାରଙ୍କ ହସ୍ତଶିଳ୍ପ ବିକାଶ ଆୟୁକ୍ତଙ୍କ ପକ୍ଷରୁ ୧୫୦ଟି ଷ୍ଟଲ, ହସ୍ତତନ୍ତ ବିକାଶ ଆୟୁକ୍ତଙ୍କ ପକ୍ଷରୁ ୫୦ଟି ଷ୍ଟଲ, ରାଜ୍ୟ ସରକାରଙ୍କ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୨୫୦ଷ୍ଟଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୧୧୦ଟି ଷ୍ଟଲ ବ୍ୟବସ୍ଥା ହୋଇଛି। ଓଡ଼ିଶାର ପାରମ୍ପରିକ ଖାଦ୍ୟ ପାଇଁ ୩୫ଟି ଷ୍ଟଲ ରହିବ। ଏହା ବ୍ୟତୀତ ବିଭିନ୍ନ ଶିକ୍ଷାନୁଷ୍ଠାନ, ଭାରତ ତଥା ଓଡ଼ିଶା ସରକାରଙ୍କ ଅଧୀନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଭିତ୍ତିକ ସଂସ୍ଥାମାନେ ବିଭିନ୍ନ ଷ୍ଟଲରେ ଦର୍ଶକମାନଙ୍କୁ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଷୟରେ ଅବଗତ କରିବେ। ୨୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ ‘ଶିଳ୍ପ ସୃଜନୀ’। ଅପରାହ୍ଣ ୩ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଷ୍ଟଲ ଖୋଲା ରହିବ। ତୋଷାଳି ମେଳା ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ ହେବ ବୋଲି କହିଛନ୍ତି ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। ଏନେଇ ଆଜି ରାଜ୍ୟ ଅତିଥି ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।
ଖୋଲିବ ୬୫୦ରୁ ଅଧିକ ଷ୍ଟଲ
ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ବତନ୍ତ୍ର ହେଲ୍ପ ଡେସ୍କ, ହ୍ବିିଲଚେୟାର
ପ୍ରତ୍ୟେକ ଦିନ ସନ୍ଧ୍ୟା ୬ଟାରୁ ରାତି ସାଢ଼େ ୯ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ। ସେହିପରି ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଫ୍ୟାସନ ସୋ’ ଅନୁଷ୍ଠିତ ହେବ। ଏହି ବର୍ଷ ମେଳାକୁ ବୟସ୍କ ତଥା ଦିବ୍ୟାଙ୍ଗ ଅନୁକୂଳ ବାତାବରଣରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଅଛି। ହୁଇଲ ଚେୟାର ସହ ଦିବ୍ୟାଙ୍ଗ ଓ ବୟସ୍କ ପରିଦର୍ଶକଙ୍କ ପାଇଁ ଏକ ସ୍ୱତନ୍ତ୍ର ହେଲ୍ପ ଡେସ୍କର ବ୍ୟବସ୍ଥା କରାଯାଇଛି। ଦିବ୍ୟ।ଙ୍ଗ ଓ ମହିଳା ପରିଦର୍ଶକମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଶୌଚାଳୟର ବନ୍ଦୋବସ୍ତ ହୋଇଛି। ସାମ୍ବାଦିକ ସମ୍ମିଳନୀରେ ବିଭାଗୀୟ କମିସନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର, ସ୍ୱତନ୍ତ୍ର ଶାସନ ସଚିବ ମଧୁମିତା ରଥ, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ବିକ୍ରମାଦିତ୍ୟ ବାରିକ, ହସ୍ତଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ପ୍ରଣତି ଛୋଟରାୟ, ବ୍ୟକ୍ତିଗତ ସଚିବ ପୀତାମ୍ବର ସାମଲ, ଯୁଗ୍ମ ନିର୍ଦ୍ଦେଶକ ଶିଶିର କୁମାର ରଥ, ଉପନିର୍ଦ୍ଦେଶକ ମାନଗୋବିନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।