ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟରପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଭୁବନେଶ୍ୱର: ଆଜି ରାଜ୍ୟର ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା ମଙ୍ଗଳା, ଭୁଷୁଣ୍ଡପୁରର ମା ଉଗ୍ରତାରା ଓ ବାଣପୁରର ମା ଭଗବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ପୁର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ କିର୍ତ୍ତିରାଜିର ସମ୍ୱନିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି । ଓଡିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଉଲ୍ଲେଖ ଥାଉ କି ପୁରୀ ଜିଲ୍ଲାର କାକଟପୁରରେ ବିରାଜିତ ମା ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ । ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା ମଙ୍ଗଳାଙ୍କ ପୀଠର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି । ନବକଳେବର ସମୟରେ ଦଇତାପତି ସେବକମାନେ ମାଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁ ଯାତ୍ରା ମାଙ୍କ ପ୍ରସିଦ୍ଧ ପର୍ବ । ୫-ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ମନ୍ଦିରରେ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ । ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ । ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ ଦ୍ୱାର ନିର୍ମାଣ କରାଯିବ ।

ଯାତ୍ରୀମାନଙ୍କ ସୁବିଧାପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଙ୍ଗ ସ୍ଥଳର ମଧ୍ୟ ବିକାଶ କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବ । ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା ଭଗବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥାନ୍ତି । ମାଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ । ନବମ ଶତାବ୍ଦୀରେ ନିର୍ମିତ ମାଙ୍କ ମନ୍ଦିରର ବିକାଶ ପାଇଁ ୫-ଟି ଉପକ୍ରମରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇଛି । ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିରର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି । ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସଂପାଦନ କରିବ । ଖୋର୍ଦ୍ଧା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୁଷୁଣ୍ଡପୁରର ମା ଉଗ୍ରତାରାଙ୍କ ପୀଠ । ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା ଉଗ୍ରତାରାଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ ଯାତ୍ରୀଙ୍କ ସୁବିଧା ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡିଶା ସେତୁ ନିର୍ମାଣ ନିଗମ ଦ୍ଵାରା ୧୮ ମାସ ମଧ୍ୟରେ କାମ ଶେଷ କରାଯିବ ।

ସମ୍ବନ୍ଧିତ ଖବର