ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନାର ଆରମ୍ଭ: ଆରମ୍ଭ ହେଲା ‘ପଡ଼ା ପୁଷ୍ଟି’ କାର୍ଯ୍ୟକ୍ରମ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମାଆ, କିଶୋରୀ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ‘ପଡ଼ା ପୁଷ୍ଟି’ କାର୍ଯ୍ୟକ୍ରମର ମଧ୍ୟ ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୧୫-୧୯ ବର୍ଷ ବୟସର ସମସ୍ତ କିଶୋରୀଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତି ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଓ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍‌ଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି। ‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡ଼ା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ।

ଏଥିପାଇଁ ଲୋକସେବା ଭବନର କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବେ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ନିର୍ଭର କରେ। ଅଙ୍ଗନବାଡି କର୍ମୀ ଓ ମିସନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି। ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ୍‌ ପରିକଳ୍ପନା କରିଛି। ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁଙ୍କୁ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବ। ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରିକ ବିକାଶକୁ ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍, ଉନ୍ନୟନ କମିସନର ଅନୁ ଗର୍ଗ, ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭାଗୀୟ ସଚିବ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର