ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି

ସବୁ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର

ଭୁବନେଶ୍ବର: ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାଯାଇଛି। ଏହାଫଳରେ ମୟୂରଭଞ୍ଜ ଜିଲ୍ଲାରୁ କରୋନା ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ସୂଚନାଯୋଗ୍ୟ, ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ରାଜ୍ୟରେ ଆଜି ସକାଳେ  ୧୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଥିଲା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୧୮ଟି ଜିଲ୍ଲାରୁ ମୋଟ ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦ ବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୨୨ ହୋଇଥିବା ବେଳେ ସୁସ୍ଥ ହୋଇ ଫେରିଛନ୍ତି ୬୩ ଜଣ। ଦୁଇଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର