ଭୁବନେଶ୍ୱର: ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମଇଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ୍‌ ଓ ଗ୍ରାମ ପଞ୍ଚାୟତକୁ ଯୋଡ଼ିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନଗୁଡ଼ିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତିକରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ ସହ ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ।

Advertisment

ସୂଚନାଯୋଗ୍ୟ ଐତିହ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ସମ୍ମିଳନୀ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’। ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଏକାଡେମିକ୍‌ ଅଧିବେଶନ ରହିଛି। ଏଥିରେ ବହୁ ମାନ୍ୟଗଣ୍ୟ ଭାଷାବିତ୍‌, ବୁଦ୍ଧିଜୀବୀଙ୍କ ସମେତ ସ୍କୁଲ, କଲେଜର ଛାତ୍ରଛାତ୍ରୀମାନେ ଯୋଗଦେବେ। ଏହି ସମ୍ମିଳନୀ ଓଡ଼ିଶାର ଅତୀତ ଓ ବର୍ତ୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ। ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରାଯିବ। ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ରସ୍ଥଳରେ ଏହି ସମ୍ମିଳନୀ ଓଡ଼ିଆ ଭାଷାର ଜୟଗାନ କରିବ। ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ। ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣସ୍ଥଳୀ।