ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି ନିଆଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ଶନିବାର ସନ୍ଧ୍ୟାରେ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରୁ ଠିକା ନିଯୁକ୍ତିର ଯୁଗ ଶେଷ ହୋଇଛି। ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିିକ କର୍ମଚାରୀଙ୍କ ନିଯୁକ୍ତି ନିୟମିତ ହେବ। ଏହା ଦ୍ବାରା ୫୭ ହଜାରରୁ ଊର୍ଦ୍ଧ୍ବ କର୍ମଚାରୀ ଉପକୃତ ହେବେ। ରାଜ୍ୟ ସରକାର ଏଥି ପାଇଁ ରାଜ୍ୟ ସରକାରଙ୍କ ପାଣ୍ଠିରୁ ୧୩ ଶହ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ତେବେ ଏନେଇ ଆସନ୍ତାକାଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ।
ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଆପଣମାନଙ୍କର ଆଶୀର୍ବାଦରେ ୨୦୦୦ ମସିହାରୁ ରାଜ୍ୟବାସୀଙ୍କ ସେବା କରିବାର ସୁଯୋଗ ପାଇପାରିଛି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ସେତେବେଳେ ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ତେବେ ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା। ଏହି ସମୟରେ ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା, ବାତ୍ୟା ଓ ମରୁଡି ଲାଗି ରହିଥିଲା। ଗରିବୀ ମଧ୍ୟ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା ଥିଲା।
ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ? ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ।
ଚୁକ୍ତିଭିତ୍ତିିକ ବ୍ୟବସ୍ଥା ଉଚ୍ଛେଦ ଦ୍ୱାରା ରାଜ୍ୟର ମୋଟ ୭୩ ହଜାର କର୍ମଚାରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନେ ସମସ୍ତେ ଭଲକାମ କରନ୍ତୁ। ସରକାରୀ କର୍ମଚାରୀମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରିବାକୁ ନବୀନ ନିବେଦନ କରିଛନ୍ତି । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ, ଟିମ୍ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସପ୍ୟାରେନ୍ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ।