ଭୁବନେଶ୍ବର: ବିଦ୍ୟୁତ ହେଉଛି ବିକାଶର ଜୀବନରେଖା। ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ। ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି । ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ରାୟଗଡା, ନବରଂଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବ୍ଷ୍ଟେସନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ ଲାଇନ ଉଦ୍‌ଘାଟନ କରି ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Advertisment

publive-image

ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନସ୍‌ମିସନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୂତନ ବ୍ୟବସ୍ଥା ଦ୍ବାରା କଳାହାଣ୍ଡି, ରାୟଗଡା, ନବରଂଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା’ ମାନେ ବିଶେଷ ଉପକାର ପାଇବେ। କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଥିଲେ ।

ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ପ୍ରକଳ୍ପ ଆରମ୍ଭ କରିଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍‌ଷ୍ଟେସନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ-ଭୋଲ୍‌ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

publive-image

ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡା-ଗୁଣୁପୁରରେ ବିଧାୟକ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ବିଦ୍ୟୁତ ଭିତ୍ତିଭୂମିର ବିକାଶ ଦ୍ବାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ମତବ୍ୟକ୍ତ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଶକ୍ତି ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ। ଓପିଟିସଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।