୭୦ତମ ସାଧାରଣତନ୍ତ୍ର ଦିବସ : ରାଜଧାନୀରେ ରାଜ୍ୟପାଳ, କଟକରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦିନକ ପରେ ସାରା ଦେଶ ପାଳିବ ୭୦ ତମ ସାଧାରଣତନ୍ତ୍ର ଦିବସ। ଏଥି ପାଇଁ ଓଡ଼ିଶା ସରକାର ବ୍ୟାପକ ପ୍ରସ୍ତୁତି କରିଛନ୍ତି । ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପରେଡ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିବେ। ସେହିପରି କଟକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିବେ।

ବିଭିନ୍ନ ଜିଲ୍ଲାରେ ଆୟୋଜିତ ଜିଲ୍ଲା ସ୍ତରୀୟ ପରେଡ୍‌ ଉତ୍ସବରେ କେଉଁ ମନ୍ତ୍ରୀ କେଉଁ ଜିଲ୍ଲାରେ ଯୋଗ ଦେବେ ତାହାର ତାଲିକା ଚୂଡ଼ାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ତାଲିକା ଅନୁଯାୟୀ, କନ୍ଧମାଳରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିକ୍ରମ କେଶରୀ, ମୟୂରଭଞ୍ଜରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଉଷା ଦେବୀ, ଗଜପତିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ବାଲେଶ୍ବରରେ ସମବାୟ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର, ନୂଆପଡ଼ାରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯାଜପୁରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ ସାମଲ, ଢେଙ୍କାନାଳରେ ରାଜସ୍ବ ମନ୍ତ୍ରୀ ମହେଶ୍ବର ମହାନ୍ତି, ପୁରୀରେ ଅର୍ଥ ମନ୍ତ୍ରୀ ଶଶୀଭୂଷଣ ବେହେରା ଏବଂ କଳାହଣ୍ଡିରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଜିଲ୍ଲା ସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ସେହିପରି ଅନୁଗୁଳରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ରମେଶ ଚନ୍ଦ୍ର ମାଝୀ, ସମ୍ବଲପୁରରେ ସମ୍ବଲପୁରରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ, ରାୟଗଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୁନ୍ଦରଗଡ଼ରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ନବରଙ୍ଗପୁରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଡାକ୍ତର ନୃସିଂହ ସାହୁ, ମାଲକାନଗିରିରେ ଶକ୍ତି ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ଗଞ୍ଜାମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ଏବଂ କୋରାପୁଟରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା ପତାକା ଉ‌େତ୍ତାଳନ କରିବେ। ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ଓ ରାଉରକେଲାରେ ଉତ୍ତାରାଞ୍ଚଳ ରାଜସ୍ବ ଆୟୁକ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଭଦ୍ରକ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଦେଓଗଡ଼, ଜଗତସିଂପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼ ଓ ସୋନପୁରରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବା ସହ ସମବେତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ।

ସମ୍ବନ୍ଧିତ ଖବର