ଆରମ୍ଭ ହେଲା ତିନି ଠାକୁରଙ୍କ ଅଧରପଣା ନୀତି

ପୁରୀ : ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ଏହି ନୀତି ପାଇଁ ଶ୍ରୀବିଗ୍ରହମାନଙ୍କ ତିନି ରଥରେ ୯ଟି ମାଟିପାତ୍ର ସଜ ବସିଥିଲା। ସିଂହଦ୍ଵାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିଥିଲେ। ପାଣି ଛଣା ହୋଇ ପିତ୍ତଳ ହଣ୍ଡାରେ ରଖାଯିବା ପରେ ସୁପକାର ବା ସୁଆରମାନେ ପଣା ପ୍ରସ୍ତୁତ କରିଥିଲେ। ଛାଚି, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣରେ ଏହି ପଣା ପ୍ରସ୍ତୁତ ହୋଇଛି। ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଏହା ଭଙ୍ଗାଯିବ।

ତେବେ ଅଶରୀରିମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯିବାର ପରମ୍ପରା ରହିଛି। ରଥର ପାର୍ଶ୍ଵ ଦେବାଦେବୀଙ୍କ ସମେତ ମହାପ୍ରଭୁଙ୍କ ସହ ଭୋଗ ପାଇବା ପାଇଁ ଚଣ୍ଡୀ, ଚାମୁଣ୍ଡାମାନେ ଘୂରି ବୁଲୁଥିବାରୁ ଅଧରହାଣ୍ଡି ଭଙ୍ଗାଯାଇ ସେମାନଙ୍କୁ ପଣା ଉତ୍ସର୍ଗ କରାଯାଇଥାଏ।

ସମ୍ବନ୍ଧିତ ଖବର