ସବୁ ଜୀବନ ମୂଲ୍ୟବାନ ହେଉଛି ଆମର ନୀତି; ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଗଲା

ଭୁବନେଶ୍ବର: ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାହାକୁ ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ‌ଦେଇଛନ୍ତି। ବନ୍ୟା ପରିସ୍ଥିତି ସମ୍ପର୍କରେ ମୁଖ୍ୟ ସଚିବ ଓ ସ୍ବତନ୍ତ୍ର ରିଲିଫ କମିସନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ଆଶଙ୍କା ଦେଖାଦେଇଛି। ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଅନ୍ତୁ।

ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ୍‌ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସ୍ତରରେ ସଂପୃକ୍ତ ବିଭାଗ ଜିଲ୍ଲାଗୁଡ଼ିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ କହିଥିଲେ। ଏନ୍‌ଡିଆର୍‌ଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ୟୁନିଟ୍ ଗୁଡ଼ିକ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡ଼ିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ହସ୍‌ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗଗୁଡ଼ିକ ସେଗୁଡ଼ିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ। ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟୁତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ସ୍ବତନ୍ତ୍ର ରିଲିଫ କମିସନର ପି କେ ଜେନା ବନ୍ୟା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା ରଖି କହିଥିଲେ, ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି। ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି ଏନ୍‌ଡିଆର୍‌ଏଫ୍ ଟିମ୍, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି। ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନଗୁଡ଼ିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଏହାସହିତ ନଦୀବନ୍ଧଗୁଡ଼ିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟକସ୍ଥଳେ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ସିଏମ୍‌ସି କମିସନରଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ। ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି। କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର