ପୁରୀ ଜିଲ୍ଲା ଚାଷୀଙ୍କ ପାଇଁ କାଳିଆ ସହାୟତା ଘୋଷଣା: ୧,୬୫,୧୩୧ ଚାଷୀ ପାଇବେ ୩୩ କୋଟି ଟଙ୍କା

ପିପିଲି ଉପନିର୍ବାଚନ ପାଇଁ ମିଳି ନ ଥିଲା ସହାୟତା

ଭୁବନେଶ୍ବର : ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀମାନେ କାଳିଆ ଯୋଜନାରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ। ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ।

ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା। ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସାରା ଦେଶରେ ଚାଷୀଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ। ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁଷଙ୍ଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁଷଙ୍ଗିକ କୃଷି କାର୍ଯ୍ୟ କରିପାରୁଛନ୍ତି। ଚାଷୀମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇପାରିଛି ।

ସମ୍ବନ୍ଧିତ ଖବର