ଭୁବନେଶ୍ବର: ସୋମବାର ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଗାଙ୍ଗେୟ ପଶ୍ଚିମବଙ୍ଗର ଦକ୍ଷିଣ ତଥା ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଏକ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍ ଲାଇନ୍ ବାହାରି ଆଭ୍ୟନ୍ତର ଓଡ଼ିଶା ଦେଇ ତେଲେଙ୍ଗାନା ଯାଏ ଲମ୍ବିଛି। ପୁଣି ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି। ଏସବୁ ପାଣିପାଗର ନିୟାମକ ଅନୁସାରେ ରାଜ୍ୟରେ ଆସନ୍ତାକାଲି କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୧୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୨୩ ତାରିଖ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଆଡ଼କୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/937940-kerala-rain-2.jpg)