୧୯ ଅଗଷ୍ଟରେ ଆଉ ଏକ ଲଘୁଚାପ; ପୁଣି ବର୍ଷିବ, ‘ୟେଲୋ’ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଅବପାତ ରୂପରେ ଉତ୍ତର-ଛତିଶଗଡ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ଅବପାତ ଘଣ୍ଟା ପ୍ରତି ୨୧ କିମି ବେଗରେ ଗତି କରି ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି।

ଅପରପକ୍ଷରେ ଆସନ୍ତା ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋମବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏ ପରିସ୍ଥିତିରେ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍‌ ୧୬ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା ପ୍ରଭୃତି ୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ଓ ବଜ୍ରପାତ ହୋଇପାରେ ବୋଲି ସୋମବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧିତ ଖବର