ପଶ୍ଚିମ ଓଡ଼ିଶା ପାଇଁ ଆଉ ୨୫ କୋଟି, କୋଭିଡ୍ ଚିକିତ୍ସା ଉପକରଣକୁ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ

‘ମିଳିତ ଉଦ୍ୟମରେ ଆମେ ଏ ସଙ୍କଟରୁ ମୁକ୍ତ ହେବା’

ରାଜ୍ୟରେ ଟିକାକରଣ ସାଢ଼େ ୪ କୋଟି ଟପିଲା, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପଶ୍ଚିମ ଓଡ଼ିଶାରେ ୧୧ଟି ଜିଲ୍ଲାରେ କୋଭିଡ୍‌ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଉ ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଗତ ମାସରେ ପଶ୍ଚିମ ଓଡ଼ିଶା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା। ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ୍ ଉପକରଣକୁ ମଧ୍ୟ ଲୋକଙ୍କ ସେବାରେ ଉତ୍ସର୍ଗ କରାଯାଇଛି।

ପୂର୍ବରୁ ଦିଆଯାଇଥିବା ୨୫ କୋଟି ଟଙ୍କାରେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲା ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ଼ ଓ ଅନୁଗୁଳ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସମସ୍ତ ଜରୁରୀକାଳୀନ କୋଭିଡ୍ ଉପକରଣ କିଣା ଯାଇଛି। ଭେଣ୍ଟିଲେଟର, ଅକ୍ସିଜେନ୍ ପାଇପ୍‌ ଲାଇନ, ଅଟୋଆନାଲାଇଜର୍, ସିବିସି ମେସିନ୍ ଓ ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡ଼ିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରି କହିଛନ୍ତି ଯେ ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଖୁବ ଶୀଘ୍ର ଏ ସଙ୍କଟରୁ ମୁକ୍ତ ହେବୁ। ପଶ୍ଚିମ ଓଡ଼ିଶାରେ କୋଭିଡ୍ ସ୍ଥିତିରେ ଉନ୍ନତି ଆସିଥିବାରୁ ମୁଖ୍ୟମନ୍ତ୍ରୀ ଏହାର ସବୁ ଶ୍ରେୟ ପଶ୍ଚିମ ଓଡ଼ିଶାର ଜନସାଧାରଣଙ୍କୁ ଦେଇଛନ୍ତି। ଆଗ ଧାଡ଼ିରେ ରହି କାମ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡ଼ି ଓ ଆଶା କର୍ମୀ ସମସ୍ତଙ୍କୁ ଶ୍ରେୟ ଦେଇ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଆଗକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ଆଶାପ୍ରକାଶ କରିଛନ୍ତି।

ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଥିଲେ ଯେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଯେପରି ଅଧିକ ବିକାଶ କାମ କାର୍ଯ୍ୟକାରୀ କରିପାରିବ, ସେଥିପାଇଁ ଅଧିକ ପାଣ୍ଠି ଦିଆଯାଉଛି। ବିକାଶ ପରିଷଦ ଏହାର ଦାୟିତ୍ବ ସଫଳ ଭାବରେ ନିର୍ବାହ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ଶ୍ରୀ ପଟ୍ଟନାୟକ ଆହୁରି କହିଥିଲେ ଯେ କୋଭିଡ୍ ମୁକାବିଲା ପାଇଁ ରାଜ୍ୟ ସରକାର ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି। ଅକ୍ସିଜେନ ଯୋଗାଣରେ ଓଡ଼ିଶା ନୂଆ ପରିଚୟ ସୃଷ୍ଟି କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇ ପାରିଛି। ଏହି ସଙ୍କଟ ସମୟରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ - ଏହା ଆମର ସିଦ୍ଧାନ୍ତ। ପ୍ରତ୍ୟେକ ଲୋକ ଯେପରି ଉତ୍ତମ ଚିକିତ୍ସା ସେବା ପାଇପାରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି।

ଏହି କାର୍ଯ୍ୟକ୍ରମରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଗ୍ରାମ୍ୟ ଉନ୍ନୟମ ମନ୍ତ୍ରୀ ସୁଶାନ୍ତ ସିଂହ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଉପ ମୁଖ୍ୟ ସଚେତକ ରୋହିତ ପୂଜାରୀ, ପଶ୍ଚିମ ଓଡ଼ିଶାର ସାଂସଦ ଓ ବିଧାୟକମାନେ ଯୋଗ ଦେଇଥିଲେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିସନର୍ ପି କେ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି କେ ମହାପାତ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe