ଭୁବନେଶ୍ବର: ରାଜ୍ୟରେ ଅପାରଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଏହି କ୍ରମରେ ଆଜି ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନଙ୍କ ମଧ୍ୟରେ ଅଛନ୍ତି ୩ ଜଣ ନିର୍ବାହୀ ଯନ୍ତ୍ରୀ, ଜଣେ ପୁଲିସ ଇନ୍ସପେକ୍ଟର, ଜଣେ ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜଣେ ଜିଲ୍ଲା କଲ୍ୟାଣ ଅଧିକାରୀ। ଏହି ୬ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଦା ହୋଇଥିବା ତିନି ଜଣ ନିର୍ବାହୀ ଯନ୍ତ୍ରୀ ହେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧୀନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡର୍ର। ଏମାନଙ୍କ ମଧ୍ୟରୁ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା। ସେହିପରି ନିର୍ବାହୀ ଯନ୍ତ୍ରୀ ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ ବୋଲି ସରକାରଙ୍କ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।
ନିର୍ବାହୀ ଯନ୍ତ୍ରୀ କରୁଣାକର ଘଡ଼ାଇଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି। ଅନୁଗୁଳ ଜିଲ୍ଲା ପୁଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ନୂଆପଡ଼ା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି। ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍କୁ ପଠାଯାଇଛି। ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି।