କଟକ: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଅଭିଯୋଗ କରି ହାଇକୋର୍ଟରେ ଦାୟର ମାମଲାରେ ଆଜି ଆବେଦନକାରୀଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଆରମ୍ଭ ହୋଇଛି। ପୂର୍ବରୁ ଉଭୟ ରାଜ୍ୟ ସରକାର ଓ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଜବାବ ଦାଖଲ ହୋଇଥିବା ବେଳେ ଆଜି ମାମଲାର ଚୂଡାନ୍ତ ପର୍ଯ୍ୟାୟ ଶୁଣାଣି ଆରମ୍ଭ ହୋଇଥିଲା। ଆବେଦନକାରୀଙ୍କ ଯୁକ୍ତି ଉପସ୍ଥାପନ ଅଧା ରହିଥିବା ବେଳେ ଫେବ୍ରୁଆରି ୯କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ଏଥି ସହିତ ଏଏସଓ ନିଯୁକ୍ତି ପରୀକ୍ଷାର ଚୂଡାନ୍ତ ମେଧା ତାଲିକା ପ୍ରକାଶ ଉପରେ ୨୦୨୨, ଡିସେମ୍ବର ୨ରେ ଜାରି କରାଯାଇଥିବା ଅଙ୍କୁଶ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ବଳବତ୍ତର ରଖିବାକୁ ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ରଜତ କୁମାର ମିଶ୍ର ଓ ଅନ୍ୟମାନଙ୍କ ତରଫରୁ ଦାୟର ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଏଠାରେ ସୂଚନା ଯୋଗ୍ୟ ଏହି ଡିସେମ୍ବର ୨ରେ ହାଇକୋର୍ଟ ମାମଲାର ଶୁଣାଣି କରି ରାଜ୍ୟ ସରକାର ଓ ଓପିଏସସିକୁ ୧୦ ଦିନ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଏଏସଓ ପଦ ପାଇଁ ନିଯୁକ୍ତି ପ୍ରକ୍ରିୟା ଜାରି ରହିବ, କିନ୍ତୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚୂଡାନ୍ତ ମେଧା ତାଲିକା ପ୍ରକାଶ କରାଯିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଏଏସ୍‌ଓ ନିଯୁକ୍ତି ପରୀକ୍ଷାର ସମଗ୍ର ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଛି। ଫଳରେ ବହୁ ‌ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ ପଡ଼ିଛନ୍ତି ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ମନୋଜ କୁମାର ମିଶ୍ର ମାମଲା ପରିଚାଳନା କରୁଛନ୍ତି।