୭ ଦିନରେ ଘରଭଙ୍ଗା କ୍ଷତି ଆକଳନ

ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ ପରେ ବୈଠକ ନେଲେ ମୁଖ୍ୟମନ୍ତ୍ରୀ

ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକା​ଳୀନ ଭିତ୍ତିରେ ସାରିବାକୁ କହିଲେ
ଜିଲ୍ଲାପାଳ ଓ କେନ୍ଦ୍ର ଏବଂ ରାଜ୍ୟ ସରକାରୀ ଅଧିକାରୀଙ୍କୁ ପ୍ରଶଂସା
ବେଶି ପ୍ରଭାବିତ ହୋଇଛନ୍ତି ୬୨ଟି ବ୍ଲକ, ଅନେକ ଘାଇ ବି ହୋଇଛି

ଭୁବନେଶ୍ବର : ସାମୁଦ୍ରିକ ବାତ୍ୟା ‘ୟାସ’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କର। ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲାରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରାଯିବା ଦରକାର।

ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବାତ୍ୟା ଷୟଷତି ଆକଳନ କରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅନୁଷ୍ଠିତ ଏକ ବୈଠକରେ ଏଭଳି ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମୁଦାୟ ପ୍ରଶାସନ ଏବେ ରିଲିଫ୍‌, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡିବ। କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ ଘୋଷଣା କରାଯାଇଛି। ତେବେ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ହେବ। ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ବାଭାବିକ କରିବା ପାଇଁ ପରାମର୍ଶ ଦେଇ ଆଜି ସଂଧ୍ୟା ସୁଦ୍ଧା ସମସ୍ତ ମୁଖ୍ୟ ସଡକ ଗୁଡିକ ଯାନବାହାନ ଚଳାଚଳ ପାଇଁ ଅବରୋଧମୁକ୍ତ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ। ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ସେ ଏହି ଅବସରରେ ନିର୍ଦ୍ଦେଶ ଦେଇଥିଲେ।

ବାତ୍ୟା ପରିଚାଳନାରେ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରାଶାସନିକ ଅଧିକାରୀଙ୍କୁ ଗୁରୁବାର ଦିନ ପ୍ରଶଂସା କରିଥିଲେ। ବିଧିବଦ୍ଧ ଯୋଜନା ଓ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁଁ ବାତ୍ୟା ପରିଚାଳନା ସଫ​ଳ ଭାବେ ମୁକାବିଲା ହୋଇପାରିଲା। କେବଳ ସେତିକି ନୁହେଁ, କେନ୍ଦ୍ରୀୟ ସଂସ୍ଥାଠାରୁ ଆରମ୍ଭ କରି ଜନସାଧାରଣଙ୍କୁ ମଧ୍ୟ ସହଯୋଗ ପାଇଁ ନବୀନ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ତଥ୍ୟ ରଖି କହିଥିଲେ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ଜଳମଗ୍ନ ଅଞ୍ଚଳ ବ୍ୟତୀତ ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ବାଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌, ଟ୍ୟାଙ୍କର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବା ମୁଖ୍ୟସଚିବ କହିଥିଲେ।

ସ୍ବତନ୍ତ୍ର ରିଲିଫ କମିସନର ପି.କେ. ଜେନା କହିଥିଲେ ଯେ ଲୋକଙ୍କ ସୁରକ୍ଷା ପାଇଁ ୧୨ଟି ଜିଲ୍ଲାର ୭ ଲକ୍ଷ ୧୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୮୪୧୦ଟି ଆଶ୍ରୟ ସ୍ଥଳରେ ରଖାଯାଇଥିଲା। ବାତ୍ୟା ପ୍ରଭାବରେ ୨୦୦ଟି ବ୍ଲକ୍‌ରେ ପ୍ରବଳ ବର୍ଷା ହୋଇଥିଲା। ମୟୂୁରଭଞ୍ଜର କୁସୁମୀ ବ୍ଲକ୍‌ରେ ୫୧୫ ମି.ମି ବର୍ଷା ହୋଇଥିବାର ସେ ସୂଚନା ଦେଇଥିଲେ।

ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟାଜଳ ବଢୁଛି। ହେଲେ ବନ୍ୟା ଆଶଙ୍କା କମ୍‌ ବୋଲି ପ୍ରକାଶ କରି ସେ କହିଥିଲେ ଯେ ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟାର ସମ୍ଭାବନା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି।

ଶକ୍ତି ବିଭାଗ କହିଥିଲା ଯେ ସମସ୍ତ ୩୩ ଓ ୧୧ କେଭି ଫିଡର ମରାମତି ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଖୁବ୍‌ ଶୀଘ୍ର ଶେଷ ହେବ। ୩୦ ଲକ୍ଷ ପ୍ରଭାବିତ ଉପଭୋକ୍ତାଙ୍କ ମଧ୍ୟରୁ ଆଜି ସଂଧ୍ୟା ସୁଦ୍ଧା ୨୩ ଲକ୍ଷ ଉପଭୋକ୍ତାଙ୍କୁ ବିଜୁଳି ସଂଯୋଗ ଦିଆଯିବ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ କୁହାଯାଇଛି ଯେ ସମୁଦାୟ ୬୨ଟି ବ୍ଲକ ପ୍ରଭାବିତ ହୋଇଛି। ୫୭୧ଟି ପାଇପ ଜଳ ପ୍ରକଳ୍ପକୁ ଜେନ୍‌ସେଟ୍‌ ଜରିଆରେ କାର୍ଯ୍ୟକାରୀ କରାଯାଉଛି ଏବଂ ୩୪୬ଟି ଟ୍ୟାଙ୍କର ଜରିଆରେ ଜଳମଗ୍ନ ସ୍ଥାନକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅତିରିକ୍ତ ଟ୍ୟାଙ୍କର ପଠାଯାଇଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ ପୌରାଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରକ୍ରିୟା ସ୍ବଭାବିକ କରାଯାଇଛି।

ଜଳସଂପଦ ବିଭାଗ ସଚିବ କହିଥିଲେ ଯେ କେନ୍ଦ୍ରାପଡା, ବାଲେଶ୍ବର ଓ ଭଦ୍ରକ ଅଂଚଳରେ କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ଏସବୁର ମରାମତି ଚାଲିଛି।

ମହିଳା ଓ ଶିଶୁବିକାଶ ବିଭାଗର ସୂଚନା ଅନୁଯାୟୀ ୪୫୦୦ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇଥିଲା।ସେ ମଧ୍ୟରୁ ୨୧୦୦ଙ୍କୁ ହସ୍‌ପିଟାଲକୁ ନିଆଯାଇଥିଲା। ବାତ୍ୟା ସମୟରେ ୭୫୦ ନବଜାତ ଶିଶୁ ଜନ୍ମ ହୋଇଛନ୍ତି।

ପୂର୍ତ୍ତ ବିଭାଗ କହିଛି, ସମସ୍ତ କୋଭିଡ ହସ୍‌ପିଟାଲରେ ଭିତ୍ତିଭୂମି ଠିକ୍‌ ରହିଛି। ଆଜି ସଂଧ୍ୟା ସୁଦ୍ଧା ଗଛ ପଡି ଅବରୋଧ ହୋଇଥିବା ସମସ୍ତ ସଡକ ଗୁଡିକ ଅବରୋଧମୁକ୍ତ କରାଯିବ। ଗ୍ରାମ ଉନ୍ନୟନ ବିଭାଗର ୩୫୦ଟି ସଡକ ଅବରୋଧ ହୋଇଥିବା ବେଳେ ସେସବୁ ବି ଆଜି ସଂଧ୍ୟା ସୁଦ୍ଧା ଅବରୋଧମୁକ୍ତ ହେବ।

ବୈଠକରେ ବାଲେଶ୍ବର, ଭଦ୍ରକ, ମୟୂରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରି ଏଭଳି କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ।

ସମ୍ବନ୍ଧିତ ଖବର