ଭୁବନେଶ୍ବର: ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ଓଡ଼ିଶାର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶୁକ୍ରବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା କହିଛନ୍ତି।
ଗତ ୬ ତାରିଖ ଠାରୁ ବିଜେଡି ଓ ବିଜେଡି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି ଶ୍ରୀ ସାମଲ ସ୍ପଷ୍ଟ କରିଛନ୍ତି ଯେ, ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ। କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡ଼ିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି। ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।
ଶ୍ରୀ ସାମଲ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ।