ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁରରେ ବିଜେପିର ପ୍ରଚାର ମଙ୍ଗ ଧରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଚାର ବେଳେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବା କଥା ଉଠାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ପଦ୍ମପୁର ଝାରବନ୍ଧରେ ଜନସଭାକୁ ସମ୍ବୋଧନ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ପଦ୍ମପୁରକୁ ପ୍ରଚାର କରିବା ପାଇଁ ଆସୁଛନ୍ତି । ଆମ ଦଳର ଅପେକ୍ଷା, ଏକ ଦଳର ସଭାପତି ଭାବରେ ନୁହେଁ ବରଂ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଆଜି ରାତିରେ କ୍ୟାବିନେଟ୍ ବସାଇ ପଦ୍ମପୁରକୁ ଜିଲ୍ଲା ମାନ୍ୟତାର ମଞ୍ଜୁରୀ ଦିଅନ୍ତୁ ଓ ଆସନ୍ତାକାଲି ପଦ୍ମପୁରକୁ ଜିଲ୍ଲା ଗଠନ କରିବାର ବିଜ୍ଞପ୍ତି ଚିଠା ସଙ୍ଗରେ ନେଇ ଆସନ୍ତୁ। ଏହା ସହ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନକୁ ନେଇ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

Advertisment

ଓଡ଼ିଶାର ଶିକ୍ଷକମାନେ ରାଜଧାନୀ ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି । ରାଜ୍ୟର ସ୍କୁଲ ପିଲା ମାନଙ୍କର ଭବିଷ୍ୟତ ନିର୍ମାଣ କରୁଥିବା ଶିକ୍ଷକଙ୍କୁ ମାନସିକ ଯନ୍ତ୍ରଣା ଦିଆଯାଉଛି । ସ୍ଥାୟୀ ନିଯୁକ୍ତି ନାହିଁ । ବରିଷ୍ଠ ଓ କନିଷ୍ଠ ଶିକ୍ଷକଙ୍କ ମଧ୍ୟରେ ପାତରଅନ୍ତର କରିବା ଭଳି ନୂଆ ନୀତି ନିୟମ ନିର୍ଦ୍ଧାରଣ କରାଯାଉଛି । ସ୍ଥାୟୀ ନିଯୁକ୍ତି ନହେବା ଦ୍ୱାରା ୧ଲକ୍ଷ ଶିକ୍ଷକ ମାନସିକ ଯନ୍ତ୍ରଣା ପାଉଥିବା କଥା ଧର୍ମେନ୍ଦ୍ର କହିଛନ୍ତି । ଧାନ, ଜଳସେଚନ, ରୋଜଗାର, ଇନପୁଟ ସବସିଡି ନମିଳିବା, ପଦ୍ମପୁରକୁ ଜିଲ୍ଲା ମାନ୍ୟତା ନଦେବାର ଲମ୍ବା ତାଲିକା ଅଛି । ଏହି ଅଞ୍ଚଳରୁ ହଜାର ହଜାର ଲୋକ ଦାଦନ ଖଟିବାକୁ ଯାଉଛନ୍ତି । ଦୀର୍ଘ ୨୨ ବର୍ଷ ଶାସନରେ ଯେଉଁମାନେ କାମ ଖଣ୍ଡେ ଯୋଗାଡ କରିପାରିଲେ ନାହିଁ, ଗଙ୍ଗାଧର ଜଳସେଚନ ପ୍ରକଳ୍ପରେ ପାଣି ମୁନ୍ଦେ ପହଞ୍ଚାଇପାରିଲେ ନାହିଁ, ସେମାନେ ଆଜି ମିଛ ସୁଆଙ୍ଗ ରଚୁଛନ୍ତି । ସବୁଠି ଅବ୍ୟବସ୍ଥା ଦେଖାଯାଇଛି । ୨୨ ବର୍ଷରେ ଯେଉଁମାନେ ଏହି ଅଞ୍ଚଳକୁ ଅଣଦେଖା କରିଛନ୍ତି, ସେମାନଙ୍କୁ ପଦ୍ମପୁରବାସୀ ଜବାବ୍ ଦେବେ । ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି । ପଦ୍ମପୁରବାସୀ ୨୨ ବର୍ଷର ପ୍ରତାରଣାର ନିର୍ଣ୍ଣାୟକ ମତ ଦେବେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଏଥିସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି ଯେ ପ୍ରଦୀପ ପୁରୋହିତଙ୍କ ବିଜୟରେ କୌଣସି ସନ୍ଦେହ ନାହିଁ | ଧର୍ମେନ୍ଦ୍ରଙ୍କ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ନରେନ୍ଦ୍ର ସିଂହ ତୋମାର, ବିଶ୍ୱେଶ୍ୱର ଟୁଡୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପାଇଁ ପ୍ରଚାର କରିଛନ୍ତି ।