ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହ ଦକ୍ଷିଣ ଉପକୂଳ ମିଆଁମାର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ରହିଛି। ଉଭୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ସୋମବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଦକ୍ଷିଣ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ନୟାଗଡ଼ ନୂଆପଡ଼ା ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୪ ତାରିଖ ସକାଳଠାରୁ ୨୬ ତାରିଖ ପୂର୍ବାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ପ୍ରଭାବ ଲାଗିରହିବ। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମା‌ନେ ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେପଟେ ୨୩ ତାରିଖରେ ପଶ୍ଚିମ ରାଜସ୍ଥାନ ଓ କଚ୍ଛ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବାକୁ ପାଗ ଅନୁକୂଳ ରହିଥିବା ପାଣିପାଗ କେନ୍ଦ୍ର କହିଛି।