ଭୁବନେଶ୍ବର: ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେ ପୂର୍ବ ଭଳି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ବରେ ରହିବେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦେଓରଂଜନ କୁମାର ସିଂହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାସହ ତାଙ୍କୁ ସ୍ବତନ୍ତ୍ର ରିଲିଫ କମିସନର, ଓସ୍ଡମାର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାରଙ୍କୁ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ବିଭାଗ ଏବଂ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଏମ୍ସି ଅଧ୍ୟକ୍ଷ, ଓଡ଼ିଶା ମିନେରାଲ ଏକ୍ସପ୍ଲୋରେସନ୍ କର୍ପୋରେସନ୍ ଲିମିଟେଡର ଅଧ୍ୟକ୍ଷ ଓ ଇଡ୍କୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।
ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଏହାସହ ସେ ପୂର୍ବଭଳି ଇପିକଲ୍ର ଅଧ୍ୟକ୍ଷ, ଏମ୍ଏସ୍ଏମ୍ଇ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ। ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗ ଏବଂ ଓଡ଼ିଶା ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେ ପୂର୍ବଭଳି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ। ଶିଳ୍ପ ବିଭାଗର ସ୍ବତନ୍ତ୍ର ସଚିବ ବିଶାଲ ଗଗନଙ୍କୁ ନୂଆଦିଲ୍ଲୀରେ ରାଜ୍ୟ ସରକାରଙ୍କ ପ୍ରମୁଖ ଆବାସିକ ଆୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନ୍ବିଏସ୍ ରାଜପୁତଙ୍କୁ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଭାବେ ବଦଳି ହୋଇଛି। ସେ ମିସନ୍ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ବରେ ରହିବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ବଥୀ ଏସ୍.ଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଭାବେ ବଦଳି ହୋଇଛି।
ଓଏମ୍ସିର ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂହଙ୍କର ପର୍ଯ୍ୟଟନ ସଚିବ ଭାବେ ବଦଳି ହୋଇଛି। ଏହାସହ ତାଙ୍କୁ ଓଏମ୍ସି, ଓଡ଼ିଶା ମିନେରାଲ ଏକ୍ସପ୍ଲୋରେସନ୍ କର୍ପୋରେସନ୍ ଲିମିଟେଡ୍ ଓ ଇଡ୍କୋର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟ କର ଏବଂ ଜିଏସ୍ଟି କମିସନର ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେ ପୂର୍ବଭଳି ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିବେ।
ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଏନ୍ ତିରୁମାଲା ନାଏକଙ୍କୁ ବିଡିଏ ଉପାଧ୍ୟକ୍ଷ ଭାବେ ଦାୟିତ୍ବ ମିଳିଛି। ସେ ଭୁବନେଶ୍ବର ସ୍ମାର୍ଟ ସିଟି ଓ କ୍ରୁଟ୍ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ପୂର୍ତ୍ତ ବିଭାଗର ଅତିରିକ୍ତ ଶାସନ ସଚିବ ସମର୍ଥ ବର୍ମାଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେ ଓଟିଡିସି ଓ ଓଏଫ୍ଡିସିର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗର ଯୁଗ୍ମ ସଚିବ ଅନନ୍ୟା ଦାସଙ୍କୁ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।