ଅଶ୍ବତ୍‌ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବେ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସ୍ବାଧୀନତାର ୭୫ ବର୍ଷରେ ଗାନ୍ଧୀ ଜୟନ୍ତୀ ଅବସରରେ ରବିବାର ଦିନ ଲୋକସେବା ଭବନ ପରିସରରେ ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ଦେଇ ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବେ ରୋପଣ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଶ୍ବତ୍ଥ ବୃକ୍ଷ ସାରା ଦେଶରେ ଯୁଗ ଯୁଗ ଧରି ଶାନ୍ତି, ସ୍ବାଧୀନତା ଓ ଅହିଂସାର ବାର୍ତ୍ତା ବହନ କରିଆସିଛି ଏବଂ ଯୁଗ ଯୁଗ ପାଇଁ ଏ ବାର୍ତ୍ତା ବହନ କରିଚାଲିବ। ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ବୃକ୍ଷ ସିନ୍ଧୁ ସଭ୍ୟତାରୁ ଆରମ୍ଭ କରି ଭଗବାନ ବୁଦ୍ଧଙ୍କ ସାଧନା ସହ ଯୋଡ଼ି ହୋଇ ରହିଛି । ଗୀତାରେ ମଧ୍ୟ ଏ ବୃକ୍ଷର ବର୍ଣ୍ଣନା ରହିଛି । ଏ ବୃକ୍ଷ ଆମ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ। ଏହା ଅତୀତରେ ଥିଲା, ବର୍ତ୍ତମାନ ଅଛି ଏବଂ ଭବିଷ୍ୟତରେ ମଧ୍ୟ ରହିଥିବ।

ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଘର ସଭାପତି ନୀଳମଣି ସାମଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଧୀନତା ସଂଗ୍ରାମର ଏକ ପ୍ରମୁଖ ପ୍ରତୀକ ଭାବେ ଏକ ଅରଟ ଉପହାର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ସାମଲଙ୍କୁ ଏକ ସାଲ୍‌ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ସେହିପରି ରାଜ୍ୟ ପରିକ୍ରମା କରି ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରି ଫେରିଥିବା ଅହିଂସା ରଥକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଥିଲେ। ଏହି ଅବସରରେ ଉତ୍କଳ ପ୍ରସଙ୍ଗ, ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟା ସହ ଓଡ଼ିଶାରେ ଗାନ୍ଧୀ ପୁସ୍ତକର ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦାପ ଅମାତ, ବିଜ୍ଞାନ ଓ ପ୍ରଯୁକ୍ତି ଜ୍ଞାନ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଗାୟିକା ନାଜିଆ ଆଲୋମ ରାମଧୁନ୍ ଗାନ କରିଥିଲେ।

ସମ୍ବନ୍ଧିତ ଖବର