ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଓ ୫ ଫୋକସ୍‌ ଜିଲ୍ଲାରେ ମୁକାବିଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ରାଜ୍ୟରେ କୋଭିଡ ହସ୍‌ପିଟାଲରେ ଶଯ୍ୟା, ଆମ୍ବୁଲାନ୍‌ସ ଓ ଆଇ.ସି.ୟୁ ଶଯ୍ୟା ବୃଦ୍ଧି କରାଯିବ

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ  କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଆରୋପ କରିଥିଲେ।  ଏହାସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହାସହିତ କୋଭିଡ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧାମାନଙ୍କର ମନୋବଳକୁ  ଉଚ୍ଚା ରଖିବା ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲ୍ଲାର କୋଭିଡ ଯୋଦ୍ଧାଙ୍କ ସହିତ କଥାବର୍ତ୍ତା କରୁଛନ୍ତି।

ଏହି ଅବସରରେ ପରୀକ୍ଷା ପାଇଁ ଅଧିକ ଲାବୋରେଟୋରୀ ଟେକନିସିଆନ ଓ ଅଧିକ ଆମ୍ବୁଲାନ୍‌ସ ମୁତୟନ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ସେହିପରି ମୃତ୍ୟୁବରଣ କରୁଥିବା କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବରେ ସତ୍କାର କରାଯିବା ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ। ଅନ୍ୟାନ୍ୟ ବିଷୟଗୁଡ଼ିକ ଉପରେ କୋଭିଡ ଯୋଦ୍ଧାମାନଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ସମୀକ୍ଷାରୁ ଜଣାଯାଇଛି ଯେ ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା, ଆଦି ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ତଥା ଯିବାଆସିବା ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ବାନମୂଳକ ରହିଛି। ତେଣୁ ଏହିସବୁ ଜିଲ୍ଲା ଉପରେ ଅଧିକ ଫୋକସ୍‌ କରାଯାଇ ପଦକ୍ଷେପ ନିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ଅଧିକ ମାନବ ସମ୍ବଳ ସହିତ ଅଧିକ ଭେଣ୍ଟିଲେଟର, ଆମ୍ବୂଲାନ୍ସ, ଶଯ୍ୟା ଆଦିର ବ୍ୟବସ୍ଥା କରି  ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡାକଡି ପାଳନ କରାଯାଉଛି। ଗଞ୍ଜାମ ଜିଲ୍ଲାରେ ଥିବା ଆହ୍ବାନର ମୁକାବିଲା ପାଇଁ  ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ  ବିଭିନ୍ନ ଜିଲ୍ଲାର କୋଭିଡ ଅବଜର୍ଭରମାନଙ୍କ ସହିତ ସେମାନଙ୍କ ଜିଲ୍ଲାରେ କୋଭିଡ ସ୍ଥିତି, ଚିକିତ୍ସା ସୁବିଧା, ପରୀକ୍ଷଣ ଓ ଗୋଷ୍ଠୀ ସମନ୍ବୟ ସଂପର୍କରେ ପଚାରି ବୁଝିଥିଲେ।  ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଏବଂ ବିଭିନ୍ନ ବିଭାଗର ଶାସନ ସଚିବ ଓ କୋଭିଡ ପର୍ଯ୍ୟବେକ୍ଷକ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର