ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କ୍ଷତିଗ୍ରସ୍ତ ଅଞ୍ଚଳକୁ ୧୫ଦିନ ପାଇଁ ରିଲିଫ ଯୋଗାଇବାକୁ ଘୋଷଣା

ଭୁବନେଶ୍ବର: ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ବୋଲି ଜଣାପଡ଼ିଛି। ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି। ଖୋର୍ଦ୍ଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲାର ଯେଉଁ ଗାଁମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ୭ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

ସମ୍ବନ୍ଧିତ ଖବର