ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ, ନିୟମ ନମାନିଲେ ପୁଣି ସଂପୂର୍ଣ୍ଣ ଲକ୍‌ଡାଉନ୍

ଓଡ଼ିଶାକୁ ନିରାପଦ ରଖିବାକୁ ସମସ୍ତଙ୍କ ସହଯୋଗ ଲୋଡ଼ିଲେ

ଦ୍ବିତୀୟ ଲହରର ମୁକାବିଲାରେ ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ

ଭୁବ‌ନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ଅଗଷ୍ଟ ପହିଲାରୁ ସାରା ରାଜ୍ୟରେ ଅନଲକ୍ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ହେଲେ ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାକୁ ଲାଗିଛି। ଏହାକୁ ନଜରରେ ରଖି ଓଡ଼ିଶାକୁ ନିରାପଦ ରଖିବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସହଯୋଗ କାମନା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ଯେ ଯଦି କୋଭିଡ ନିୟମକୁ ଲୋକମାନେ ଠିକ୍ ଭାବେ ପାଳନ ନକରିବେ, ତେବେ ପୁଣି ଥରେ ସଂପୂର୍ଣ୍ଣ ଲକ୍‌ଡାଉନ୍ ଘୋଷଣା ହେବ।

ବୁଧବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇ କହିଛନ୍ତି ଯେ ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି। ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ। ଏବେ ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ବହୁତ ଭିଡ଼ ହେଉଛି। ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ। ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ। ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି। ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସଂପୂର୍ଣ୍ଣ ଲକ୍‌ଡାଉନ୍ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ। ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କୋଭିଡ କେସ୍‌ ବଢୁଛି। ଭୁବନେଶ୍ବରରେ ଏବେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି। ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି। କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ। କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି। ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଏହାଦ୍ବାରା ହିଁ ଆମେ ତୃତୀୟ ଲହରର ପ୍ରକୋପକୁ କମ୍‌ କରିଦେଇପାରିବା।

ସେହିପରି ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡ଼ି ନାହିଁ। ବୁଢ଼ା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି। ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସୁରକ୍ଷା ଦେଉଛି। କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟଗୁଡ଼ିକର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟିନାହିଁ। ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି। ଡାକ୍ତରମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ହେବାକୁ ହେବ।

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ। ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ। ଜୀବନ ଅମୂଲ୍ୟ। ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ। ମୁଖ୍ୟମନ୍ତ୍ରୀ ଶେଷରେ କହିଥିଲେ, ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ।’

ସମ୍ବନ୍ଧିତ ଖବର