ପୁଣି ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ, କୋଭିଡ୍‌ ବିପଦ ଦୂର ହୋଇନି

ଗରିବ ଲୋକଙ୍କ ପାଖକୁ ଗଲାଣି ୨୦୦୪ କୋଟିର କୋଭିଡ୍‌ ସହାୟତା

ଭୁବନେଶ୍ବର : ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାହାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶୁକ୍ରବାର ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ମାସ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ। ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢ଼ୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି। ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର। ତେଣୁ ଜିଲ୍ଲା ହସ୍ପିଟାଲ ଠାରୁ ଆରମ୍ଭ କରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଆଇଆଇସିଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌ଡିପିଓ, ଉପଜିଲ୍ଲାପାଳ, ଏସ୍‌ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶ ଭାବରେ ବିବେଚନା କରି ଯତ୍ନବାନ ହେବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ।

Medical Xpress

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, ମନରେଗା ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୂଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିସନ ଶକ୍ତିର ମା’ମାନଙ୍କ ଠାରୁ ଆରମ୍ଭ କରି ରାସ୍ତାପାର୍ଶ୍ବ ଦୋକାନୀ ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ଏ ପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି. କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ଅବଗତ କରିଥିଲେ। ଉନ୍ନୟନ କମିସନର ତଥା ସ୍ବତନ୍ତ୍ର ରିଲିଫ କମିସନର ପି. କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରିତା ସମ୍ପର୍କରେ ଉପସ୍ଥାପନା ରଖିଥିଲେ। ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ। ଏହି ବୈଠକରେ ପୁଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର