ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି। ଆଜି ପଞ୍ଜୀକୃତ ୧ ହଜାର ଅଭିଯୋଗକାରୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ସାତ ଜଣ ବରିଷ୍ଠ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ। ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଭିନ୍ନକ୍ଷମଙ୍କ ପାଖକୁ ଯାଇଥିଲେ। ପରେ ପ୍ରକୋଷ୍ଠ ଭିତରକୁ ଆସି ଅନ୍ୟମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ସମସ୍ତ ଅଭିଯୋଗର ପ୍ରତିବିଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ।

Advertisment

୧୧ ପାଳିରେ ୯୩% ଅଭିଯୋଗର ସମାଧାନ

ସିଙ୍ଗିଲ୍ ୱିଣ୍ଡୋ ବ୍ୟବସ୍ଥାରେ ଅସାଧ୍ୟ ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ବ୍ୟବସ୍ଥାରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ୍‌ ୱିଣ୍ଡୋ ବ୍ୟବସ୍ଥାରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୮୯୪ଟି ଅଭିଯୋଗ ମଧ୍ୟରୁ ୯୩% ଅର୍ଥାତ୍‌ ୧୦,୧୩୨ଟି ଅଭିଯୋଗର ସମାଧାନ କରାଯାଇଛି। ଏହି ଅଭିଯୋଗ ଶୁଣାଣିରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଶ୍ରମ ମନ୍ତ୍ରୀ ଗଣେଶ ରାମସିଂହ ଖୁଣ୍ଟିଆ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗର ସଚିବସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।